ଦଣ୍ଡ ନାଚ
| ଦଣ୍ଡ ନାଚ | |
|---|---|
| ଅନ୍ୟ ନାଆଁ | ଦଣ୍ଡ ନାଟ |
| ପାଳନକାରୀ | ଓଡ଼ିଆ ଲୋକ |
| ପ୍ରକାର | Hindu |
| ଶେଷ | ମେରୁ ସଂକ୍ରାନ୍ତି |
| ତାରିଖ | ୧୪ ଅପ୍ରେଲ |
| ପାଳନ | ପୂଜା, ଉପବାସ |
ଓଡ଼ିଶାର ଲୋକନୃତ୍ୟ ମଧ୍ୟରୁ ଦଣ୍ଡନାଚ ଏକ ବହୁ ପ୍ରାଚୀନ ଓ ପାରମ୍ପରିକ ନାଚ । ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ ଏହି ନୃତ୍ୟ ଧର୍ମଧାରଣା ଏବଂ ଇଶ୍ଵର ବିଶ୍ଵସ ଉପରେ ପ୍ରତିଷ୍ଠିତ । ଦଣ୍ଡନାଚରେ ପ୍ରଭା, ନାଗ, ଫାସ, ଦଣ୍ଡ, ଗୌରୀବେତ, ମୟୂରଚନ୍ଦ୍ରିକା, ଚମ୍ପାବର, ଗୁଆ, କଷାୟବସ୍ତ୍ର, ପତାକା ଏବଂ ବେତ ଏକାନ୍ତ ଆବଶ୍ୟକ । ଗୌରୀବେତରେ ସ୍ଵୟଂ ଶିବ ବିରାଜମାନ କରିଥାନ୍ତି ବୋଲି ବିଶ୍ଵାସ କରାଯାଏ । ଏହି ପର୍ବ ପ୍ରାଚୀନ ଇତିହାସରୁ ଓଡ଼ିଶାରେ ଚଳି ଆସୁଛି ଏବଂ ଓଡ଼ିଶା ବାସୀଙ୍କର ନୂଆ ବର୍ଷ ଦିନ ଏହା ଉଦଯାପିତ ହୁଏ । ଦଣ୍ଡନାଚରେ ଉଭୟ ଶିବ ଓ କାଳୀଙ୍କୁ ଉପାସନା କରାଯାଏ । [୧] ଓ ଏହା ବୈଶାଖ ମାସରେ ଆରମ୍ଭ ହୋଇ ୧୩ ଦିନ ପର୍ଯ୍ୟନ୍ତ ପାଳନ ହୁଏ । [୨] ୧୩ ଦିନ ଶେଷର ଦିନକୁ ମେରୁ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି କୁହାଯାଏ । [୩] [୪]
ସେହି ପରି କଟକ ଜିଲ୍ଲାରେ ଏହାକୁ ପାଟୁଆ[୫] ବୋଲି କୁହାଯାଇଥାଏ, ଏହା ମଧ୍ୟ ବିଭିନ୍ନ ନାମରେ ଯଥା ଅଗ୍ନି ପାଟୁଆ, କଣ୍ଟାପାଟୁଆ, ଖଣ୍ଡା ପାଟୁଆ, ଝୁଲା ପାଟୁଆ ଓ ଫୋଡ଼ ପାଟୁଆ ଇତ୍ୟାଦି ।
ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଚରେ ମିଶିବା ଦ୍ଵାରା ମା'କାଳୀଙ୍କ କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ଵାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରନ୍ତି । ଦଣ୍ଡନାଚରେ ୧୩ଜଣ ମୁଖ୍ୟଭୋକ୍ତା ଥାଆନ୍ତି, ଏହି ୧୩ଜଣ ତେର ବର୍ଷ ପାଇଁ ଅଂଶଗ୍ରହଣ କରିବାକୁ ବାଧ୍ୟ । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ଭୋକ୍ତାମାନେ ଯେଉଁ ୧୬ପ୍ରକାର ଦଣ୍ଡ ପରମ୍ପରା ଅନୁସାରେ ଗ୍ରହଣ କରନ୍ତି ସେଗୁଡ଼ିକ ହେଲା: ଆହାର, ଉଜାଗର (ନିଦ୍ରା), ମୈଥୁନ ତ୍ୟାଗ, ଗୃହତ୍ୟାଗ, ପଦଗମନ, ଶ୍ମଶାନ, ନୃତ୍ୟ, ଧୂଳି, ପାଣି, ଅଗ୍ନି, ଗୃହଦଣ୍ଡ, ଅଙ୍ଗବଳୀ, ମେରୁପଟା (କଣ୍ଟା ଫୋଡ଼ିବା), ଶୁଦ୍ଧିକ୍ରିୟା, କୁଳଭୋଜି, ଅଗ୍ନି ପରିକ୍ଷା (ଅଗ୍ନିରେ ଚାଲିବା) ।
ଲିଆ, ପଣା ତଥା ମୁଗସିଝା ଏମାନଙ୍କର ଖାଦ୍ୟ । ଭୋକ୍ତାମାନେ ଶିବ, ପାର୍ବତୀ, କାଳୀ, କଳସ, ବେତ, ଛତ୍ର, ବାନା, ଆଲଟ, ଚାମର, ଘଣ୍ଟ, ଢୋଲ, ମହୁରୀ, ଶଙ୍ଖ, ତୁରୀ ଧରି ଗାଁକୁ ଗାଁ ବୁଲନ୍ତି । ମାନସିକ କରିଥିବା ବ୍ୟକ୍ତି ସେମାନଙ୍କୁ ନିମନ୍ତ୍ରଣ କରନ୍ତି । ଷୋହଳ ସୁଆଙ୍ଗ ଦଣ୍ଡନାଚର ମୁଖ୍ୟ ଆକର୍ଷଣ । ଯଜମାନଙ୍କ ମନସ୍କାମନା ପୂର୍ଣ୍ଣ ପାଇଁ ପ୍ରାର୍ଥନା କରି ପାଣିଦଣ୍ଡ, ଧୂଳି ଦଣ୍ଡ, ବଜ୍ର ଦଣ୍ଡ, ଅଗ୍ନି ଦଣ୍ଡ, ନୃତ୍ୟ ଦଣ୍ଡ ଆଦି ବରଣ କରନ୍ତି । ପ୍ରଚଣ୍ଡ ଖରାରେ ତତଲା ବାଲି ଉପରେ ଗଡ଼ି, ପିରାମିଡ଼ କରି ଭୋକ୍ତାମାନେ ପାଣିଦଣ୍ଡ ନୃତ୍ୟ ପରିବେଷଣ କରନ୍ତି । ଶିବ ପାର୍ବତୀ, ଯୋଗିଯୋଗିଆଣୀ, କେଳା କେଳୁଣୀ, ଶବର ଶବରୁଣୀ, ହାଡ଼ି ହାଡ଼ିଆଣୀ, ଚଢ଼େୟା ଚଢ଼େୟାଣୀ, ବୀଣାକାର ଇତ୍ୟାଦି ସୁଆଙ୍ଗ ଦର୍ଶକମାନଙ୍କୁ ଆକୃଷ୍ଟ କରେ । ସୁଆଙ୍ଗବେଳେ ଚରିତ୍ରକୁ ଚାହିଁ ବେଶ ପୋଷାକ ପିନ୍ଧନ୍ତି । ପୌରାଣିକ, କୃଷିଭିତ୍ତିକ ଏବଂ ସାଧାରଣ ଜୀବନ ଦର୍ଶନର ପ୍ରଭାବ ଦଣ୍ଡନାଟ ସୁଆଙ୍ଗରେ ଦେଖିବାକୁ ମିଳିଥାଏ । ଏଥିରେ ଅତି ସରଳ ଗ୍ରାମୀଣ ଭାଷା ବ୍ୟବହାର କରାଯାଇଥାଏ । ବିଷୁବ ସଂକ୍ରାନ୍ତି ଦିନ ଦଣ୍ଡନାଚ ଶେଷ ହୁଏ । ଏହି ଶେଷଦିନକୁ ମେରୁ ପୂଜା କୁହାଯାଏ । ପ୍ରଜ୍ଜ୍ଵଳିତ ଅଗ୍ନି ଉପରେ ମେରୁ ଖୁଣ୍ଟରେ ଝୁଲି ପାଟଭୋକ୍ତା ଭକ୍ତମାନଙ୍କ ପାଇଁ ଶାରିରୀକ କଷ୍ଟ ଗ୍ରହଣ କରନ୍ତି । ଘଣ୍ଟ, ଝାଞ୍ଜ ଓ ଢୋଲ ଇତ୍ୟାଦି ବାଦ୍ୟଯନ୍ତ୍ର ବାଜୁଥିବା ବେଳେ ଭୋକ୍ତାମାନଙ୍କ କଳାରୁଦ୍ରମଣିକି ଭଜ ହେ ଧ୍ଵନି ଶ୍ରଦ୍ଧାଳୁଙ୍କ ମନରେ ଭୟ ମିଶ୍ରିତ ଭକ୍ତି ଭାବ ସୃଷ୍ଟି କରିଥାଏ । ଏହାର ପରଦିନ କୁଳଭୋଜି ହୁଏ, ସମସ୍ତେ ଏକାଠି ବସି ଖାଆନ୍ତି ଓ ନିଜ ନିଜର ଶୁଦ୍ଧିକ୍ରିୟା କରି ଭୋକ୍ତାମାନେ ଘରକୁ ବାହୁଡ଼ନ୍ତି ।
ଆଧାର [ସମ୍ପାଦନା]
- ↑ Āśutosha Bhaṭṭācārya (1977). The sun and the serpent lore of Bengal. "Visuba Sankaratni and "Meru Sankranti" are same. Firma KLM. ପୃଷ୍ଠା. 80. http://books.google.com/books?id=lqIJAQAAIAAJ. Retrieved 13 April 2012.
- ↑ "Danda Nacha". orissadiary.com. 2012. http://orissadiary.com/orissa_profile/dance/Danda%20Nacha.asp. Retrieved 13 April 2012. "Danda Nacha"
- ↑ Indira Gandhi National Centre for the Arts (1995). Prakr̥ti: Primal elements, the oral tradition. Meru Sankranti. Indira Gandhi National Centre for the Arts. ପୃଷ୍ଠା. 172. ISBN 978-81-246-0037-5. http://books.google.com/books?id=VaLpAAAAMAAJ. Retrieved 13 April 2012.
- ↑ Meru Sankranti at end of Danda Nata
- ↑ http://heritageodisha.com/PATUA%20JATRA.html
ଅଧିକ ତଥ୍ୟ [ସମ୍ପାଦନା]
|
|||||||||||||||||||||||||||||||||||||||||||