ମକର ସଂକ୍ରାନ୍ତି

ଉଇକିପିଡ଼ିଆ ରୁ
ମକର ସଂକ୍ରାନ୍ତି
ମକର ସଂକ୍ରାନ୍ତି
ମକର ଉପଲକ୍ଷେ ଗୁଡ଼ି ବିକ୍ରି
ନାଆଁ ମକର ସଂକ୍ରାନ୍ତି
ଅନ୍ୟ ନାଆଁ ପୋଙ୍ଗଳ, ଭୋଗୀ
ପ୍ରକାର କୃଷିଭିତ୍ତିକ, ପାରମ୍ପରିକ
ବିଶେଷତା ଅମଳର ପର୍ବ, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି
ତାରିଖ ଜାନୁଆରୀ ୧୪
ପାଳନ ମକର ଚାଉଳ ଭୋଗ, ଗୁଡ଼ି ଉଡ଼ା ପ୍ରତିଯୋଗିତା

ମକର ସଂକ୍ରାନ୍ତି, ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୁଏ । ସୂର୍ଯ୍ୟ ମକର ରାଶିକୁ ଆସି ବିଷୁବ ରେଖା ଆଡକୁ କ୍ରମଶଃ ଗତି କରନ୍ତି ।

ବିଶ୍ଵାସ[ସମ୍ପାଦନା]

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ଵର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ଵାସ କରନ୍ତି । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି । ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ଵାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ ।

ପାରମ୍ପରିକ ରୀତିନୀତି[ସମ୍ପାଦନା]

ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦି ମିଶାଇ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା'ନ୍ତି ।

ଆଦିବାସୀଙ୍କ ମକରପର୍ବ[ସମ୍ପାଦନା]

ଓଡିଶାର ଉତ୍ତରାଞ୍ଚଳରେ, ବିଶେଷତଃ ମୟୂରଭଞ୍ଜକେନ୍ଦୁଝର ଜିଲ୍ଲାରେ ଆଦିବାସୀମାନଙ୍କର ମକରଯାତ୍ରା ଏକ ପ୍ରଧାନ ପର୍ବ । ସେମାନେ ଏହି ପର୍ବକୁ ଟୁସୁ ପରବ ରୂପେ ପାଳନ କରିଥା'ନ୍ତି । ମକର ସଂକ୍ରାନ୍ତିର ପୂର୍ବରୁ ଓ ପରେ ସମସ୍ତଙ୍କ ଘରେ ଭିନ୍ନଭିନ୍ନ ପ୍ରକାର ବ୍ୟଞ୍ଜନ ବିଭିନ୍ନ ଦିନରେ ହୋଇଥାଏ । ଏହି ପର୍ବରେ ସମସ୍ତେ ନୂଆବସ୍ତ୍ର ପରିଧାନ କରନ୍ତି । ନାଚଗୀତ ଓ ଭୋଜିଭାତରେ ମାଧ୍ୟମରେ ଏହିପର୍ବକୁ ମହା ଆନନ୍ଦରେ ଆଦିବାସୀମାନେ ପାଳନ କରିଥା'ନ୍ତି । ମକର ପର୍ବର ଟୁସୁଗୀତ ଅତ୍ୟନ୍ତ ହୃଦୟସ୍ପର୍ଶୀ । ଓଡ଼ିଶାର ସମତଳ ଅଞ୍ଚଳ ଅପେକ୍ଷା ମାଳ ଅଞ୍ଚଳରେ ମକର ଯାତ୍ରା ବଡ ଜାକଜମକକରେ ଦୀର୍ଘଦିନ ଧରି ପାଳନ କରାଯାଏ । ପ୍ରାୟ ପ୍ରତ୍ୟେକ ଆଦିବାସୀ ଗୋଷ୍ଠି ଏହି ପର୍ବ ପାଳନ କରନ୍ତି । ଏହି ସମୟରେ ଆଦିବାସୀ ଅଞ୍ଚଳଗୁଡିକ ଯାତ୍ରା ମେଳଣର ଆମୋଦପ୍ରମୋଦରେ ଜୀବନ୍ତ ହୋଇଉଠେ । ସେମାନଙ୍କ ପରମ୍ପରାରେ ମକରଯାତ୍ରା ଏକ ସ୍ନେହ, ପ୍ରେମ ଓ ସଦ୍‌ଭାବନାର ମହୋତ୍ସବ ।

କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଆସାମ, ବଙ୍ଗଳା ଓ ଓଡିଶା ପ୍ରଭୃତି ସ୍ଥାନରେ କୃଷକମାନେ ମକର ପର୍ବକୁ ଦୁଇଦିନ ବା ତିନିଦିନ ପାଳନ କରିଥା'ନ୍ତି । ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଓ ଅନ୍ୟାନ୍ୟ ସ୍ଥାନରେ ଭୋଗୀ ପର୍ବ ଭାବେ ପରିଚିତ । ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ । ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ ।

ଆଧାର[ସମ୍ପାଦନା]

ଅଧିକ ତଥ୍ୟ[ସମ୍ପାଦନା]