ମହା ଶିବରାତ୍ରି
| ମହା ଶିବରାତ୍ରି | |
|---|---|
ଶିବ |
|
| ଅନ୍ୟ ନାଆଁ | ଶିବରାତ୍ରି |
| ପାଳନକାରୀ | ଶିବ ମନ୍ଦିର ଓ ଶିବ ଭକ୍ତ |
| ତାରିଖ | ଫାଲ୍ଗୁନ କୃଷ୍ଣ ଚତୁର୍ଦ୍ଦଶୀ |
| ୨୦୧୨ ତାରିଖ | ୨୦ଫେବୃଆରୀ |
| ୨୦୧୩ ତାରିଖ | ୧୦ ଫେବୃଆରୀ[୧] |
| ପାଳନ ସବୁ | ଉପବାସ, ଉଜାଗର, ପୂଜା |
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।[୨] ଭାରତର ବିଭିନ୍ନ ସ୍ଥାନରେ ଏହାକୁ ବଡ଼ ଆଡମ୍ବର ସହକାରେ ପାଳନ କରାଯାଏ ।
ବିଷୟସୂଚୀ |
ପୌରାଣିକ ଭିତ୍ତିଭୂମି [ସମ୍ପାଦନା]
ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ଵାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କ ଦ୍ଵାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ । ଏହି ବିଷକୁ ପାନ କରିବା ପରେ ବିଷର ଜ୍ଵାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।
ଅଞ୍ଚଳ [ସମ୍ପାଦନା]
ସମଗ୍ର ଓଡ଼ିଶାର ଶୈବପୀଠ, ବିଶେଷ କରି ଆରଡ଼ି, କପିଳାସ, ଗୁପ୍ତେଶ୍ଵର, ବେଦବ୍ୟାସ, ଭୁବନେଶ୍ଵର, ମହେନ୍ଦ୍ରଗିରି, ହରିଶଙ୍କର, ହୁମାରେ ଏହି ଦିନ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଏହା ପାଳନ କରିଥାନ୍ତି ।
ସଂକ୍ଷେପରେ [ସମ୍ପାଦନା]
ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ
ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ଵିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ । ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ । ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ । ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି । ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ଵାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।
ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ । ଜମ୍ବୁଦ୍ଵୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛାକରିଥିଲେ । ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ଵର ନାମରେ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା । ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ । ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ଵ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ । କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ
ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ମଧ୍ୟ କୁହାଯାଇଥାଏ । ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ । ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ଵଳ ହୁଅନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।
ଆହୁରି ଦେଖନ୍ତୁ [ସମ୍ପାଦନା]
ଆଧାର [ସମ୍ପାଦନା]
- ↑ "2013 Hindu Festivals Calendar for Bahula, West Bengal, India". drikpanchang.com. 2013. http://www.drikpanchang.com/calendars/hindu/hinducalendar.html. Retrieved 25 January 2013. "10 Sunday Maha ShivaRatri"
- ↑ "Mahashivratri in Varanasi - Mahashivaratri Festival - Mahashivaratri Celebrations - Shivaratri". varanasicity.com. http://www.varanasicity.com/mahashivaratri.html. Retrieved 28 January 2013. "Mahashivaratri (the great night of Shiva) falls on the fourteenth day of the dark fortnight of Phalguna (February/March) and is dedicated to the worship of Lord Shiva."
|
|||||||||||||