ରଜ ପର୍ବ
| ରଜ | |
|---|---|
ରଜ ଦୋଳି ଖେଳ |
|
| ନାଆଁ | ରଜପର୍ବ |
| ଅନ୍ୟ ନାଆଁ | ରଜ ପରବ |
| ପାଳନକାରୀ | ଓଡ଼ିଆ |
| ପ୍ରକାର | ବସୁମତୀ ପୂଜନ |
| ବିଶେଷତା | ଚାଷର ଆରମ୍ଭ |
| ୨୦୧୨ ତାରିଖ | ଜୁନ ୧୫ |
| ୨୦୧୩ ତାରିଖ | ଜୁନ ୧୫ |
| ୨୦୧୪ ତାରିଖ | ଜୁନ ୧୫ |
| ପାଳନ ସବୁ | ୧ମ ଦିନ - ପହିଲି ରଜ, ୨ୟ ଦିନ - ରଜ ସଂକ୍ରାନ୍ତି, ୩ୟ ଦିନ - ବସୁମତୀ ସ୍ନାନ ଓ ଭୂମି ଦହନ |
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷାର ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । [୧] ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅ ମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ବିଷୟସୂଚୀ |
ପାଳନ [ସମ୍ପାଦନା]
ଏହି ପର୍ବ ପାଳନ ବେଳରେ ଘରର ଘରଣୀ ମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅ ମାନେ ଶାଢ଼ି ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । [୨]ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।
ବସୁମତୀ ସ୍ନାନ [ସମ୍ପାଦନା]
ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ଵଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ ବସୁମାତା ରଜସ୍ଵଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ୍ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।
ରଜଗୀତ [ସମ୍ପାଦନା]
ରଜଗୀତ ଏହି ପର୍ବରେ ବୋଲାଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁ ଗହଳିରେ ଜନ୍ମ ନେଇଥିଲା ଯାହା ଲୋକ ମୁଖରେ ବୋଲାଯାଉଥିଲା ପୁରୁଷ ପୁରୁଷ ଧରି ଓ ଧିରେ ଧିରେ ତାହା ଓଡ଼ିଆ ସାହିତ୍ୟ ଭିତରକୁ ଆସିଲା ।
| “ | ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ, ଆସିଛି ରଜ ଲୋ ଘେନି ନୂଆ ସଜବାଜ ॥ ରଜ ଦୋଳି କଟ କଟ, ମୋ ଭାଇ ମଥାରେ ସୁନା-ମୁକୁଟ, ସୁନା ମୁକୁଟ ଲୋ ଦିଶୁଥାଏ ଝଟମଟ ॥ |
” |
| “ | ପାନ ଖିଆ ରସିକ ପାଟି, ଖୋଜି ବୁଲୁଥିଲା ରାଜାଙ୍କ ହାତୀ, ଢାଳି ଦେଇଗଲା ଶିରରେ, ରାଜା ହୋଇଗଲେ ରଜରେ ॥ |
” |
ରଜଦୋଳି ଗୀତ:
- ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ।
- ରାଶିରୁ ଛାଡ଼ିଲା ଚୋପା, ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, ମଥାରେ ସିନ୍ଦୂର ଟୋପା ।
- ଉଡ଼ିଲା ଶୁଆ ନାହାକା, ଦୋଳିଟା କାହିଁକି ଲାଗୁଛି ଏକା ଲୋ, କାହା ବିନା ଏକା ଏକା ।
- ପାଚିଲା ଭଇଁଚ କୋଳି, ବେକରେ ନାଇଚି ଗଜରା ମାଳି ଲୋ, ଝୁଲାଅ ରଜର ଦୋଳି ।
- ପଣସ ପାଚିଲା ବନେ, ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, ମନକଥା କିଏ ଜାଣେ ।
- ଶଙ୍ଖ ମଲମଲ ଗିନା, ଦରଦ ଜାଣେଲୋ ଦରଦୀ ସିନା ଲୋ, ବଣିଆ ଚିହ୍ନେଟି ସୁନା ।
- ନିମ୍ବର ବୁକେ ଚନ୍ଦନ, ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, ଦେଲା ତହିଁ ଯଉବନ ।
- ଢମଣା ଛାଡ଼ିଲା କାତି, ପୁରୁଷ ସିନାଲୋ ଭ୍ରମର ଜାତି ଲୋ, ନୂଆ ଖୋଜୁଥାନ୍ତି ନିତି ।
- ଚାନ୍ଦରେ କଳଙ୍କ ଚିହ୍ନ, ନବ ଯଉବନି କିଆଁ ଗୁମାନ ଲୋ, ଆସିଲେଣି ଜୀବ ଧନ ।
- ପୋଖରୀ ତୁଠ ପଥର, ତତେ ଦେଖିଥିଲି ବାଲି ବନ୍ଧରେ ଲୋ, ଆଖି ଥିଲା ଏଣେ ତୋର ।
- ସାହାଡ଼ା ଗଛର ଛାଇ, ସେଦିନ କଥାକି ତୋ ମନେ ନାଇଁ ଲୋ, ଏତେ ଆନମନା କାହିଁପାଇଁ ।
- ଖୋସାରେ ଖୋସିଲି ଫୁଲ, କେତେ ଦେଖାଉଛୁ ନୁଖୁରା ଗେଲରେ, ଭାଙ୍ଗି ଦେବି ତୋର ଗାଲ ।
- ନଈର ଶୁଖିଲା ବାଲି, କେତେ ଫୁଲି ହେଉ ପୁଚୁକିଗାଲି ଲୋ, ଦେଖାଉଛୁ କେତେ ବେଲି ।
- ବାଜିଲା ତେଲିଙ୍ଗି ବାଜା, ରସିକ ଯେ ଜାଣେ ସ୍ନେହର ମଜା ରେ, ସେ ସିନା ମୋମନ ରଜା ।
- ଲୁଚିଗଲା ମେଘେ ଚାନ୍ଦ, ଦୋଳି କଟକଟ କରେ ଶବଦ ଲୋ, ବହନ୍ତେ ପବନ ମନ୍ଦ ।
- ଦୋଳି ହୁଏ ରଟରଟ, ମୋ ଭାଇ ମୁଣ୍ଡରେ ସୁନା ମୁକୁଟ ଲୋ, ଦିଶୁଥାଏ ଝଟଝଟ ।
- ପରବତେ ଜଳେ ନିଆଁ, ପହଞ୍ଚାଇ ଦୋଳି ତେଣେ ନ ଚାହାଁ ଲୋ, ପୁଣି ହେବ ବାଆଁ ଡାଁ ।
- ଉତୁରି ପଡ଼ିଲା ଦୁଧ, ଉଙ୍କି ମାରି ମାରି ଅନାଉ ଥାଏ ଲୋ, ନନ୍ଦର ଉଦିଆ ଚାନ୍ଦ ।
- ଛତରା ବଜାର ହାଟ, ଛକି ବସିଥିବ ଚଗଲା କାହ୍ନୁଲୋ, ଛନ୍ଦରେ ମାଗିବ ଘାଟ ।
- ଥୋଡ଼ମଞ୍ଜା କଲି ରାଇ, କଣ ନ କଲେ କଳା କହ୍ନାଇ ଲୋ, ମୁହଁକୁ ଯା ନ ଅନାଇ ।
- କରମଙ୍ଗା କଲି ରାଇ, ମଥୁରାକୁ ଗଲେ କଳା କହ୍ନାଇ ଲୋ, କଣ୍ଟ ଦେଇ ଗଲେ କାହିଁ ।
- ସାଉଁଟିଲି ବିଲ ଘଷି, କିମ୍ପାଇଁ ରାଧିକା ବସିଲା ରୁଷି ଲୋ, ଫୁଲ ଶେଜ ହେଲା ବାସି ।
- କଟକଟ ହୁଏ ଦୋଳି, ଭାଉଜଙ୍କ ମନ ଯାଇଛି ଜଳି ଲୋ, ଭାଇ ବିଦେଷୁ ନଇଁଲେ ବୋଲି ।
- ଗରଜେ କଳା ବଉଦ, ମୋତେ ତ ବରଷ ହେଲା ଚଉଦ ଲୋ, ଗଲାଣି ପିଲା ସୁଆଦ ।
- ବଇଁଶୀ ବାଜିଲା କୁଞ୍ଜେ, ବଡ଼କଥା ବଡ଼ ଲୋକଙ୍କୁ ସାଜେ ଲୋ, ଛୋଟ କଲେ ଛାଟ ବାଜେ ।
- ଲାଞ୍ଜ ଟେକିଗଲା ବାଘ, ନଇଁ ଚାଲୁଥିବ ବଡ଼ଙ୍କ ଆଗେ ଲୋ, ଲାଗିବ ନାହିଁଟି ଦାଗ ।
- ଛତୁ ଫୁଟେ ବରଷାରେ, ଛତରାଟା କେତେ ଛଇ ଦେଖାଉ ରେ, ଅଛି କି ତୋ ଭରଷାରେ ।
- କରଡ଼ି ଖସିଲା ଆମ୍ବ, ପର କାହୁଁ ଘର ପରାଣୀ ହେବେ ରେ, ମନ ଜାଣି ଖଞ୍ଜି ଦେବ ।
- ବିରାଡ଼ି ଛିଙ୍କିଲା ବଣେ, ଆଗରେ ଯାଉଛି ନାଗର ଜଣେ ଲୋ, ମୁଣ୍ଡି ଝାଡୁ ଖାଲି ପଣେ ।
- ଅଦିନେ ପଣସ ସିଠା, ବଚନରେ ଯାର ନଥଏ ମିଠା ଲୋ, ସେଟା ବାଡ଼ ପକା କଣ୍ଟା ।
- ପାହାନ୍ତି ରାବିଲେ ପେଚା, ଯିଏ ହୋଇଥିବ ସିଂହର ବଚା ଲୋ, ନ ଦେବ ପଛଘୁଞ୍ଚା ।
- ମଇଁଷି ଶିଙ୍ଗରେ ଖସା, ମଉସା ପୁଆଟା ଏଡ଼େ ସହସା ଲୋ, ମତେ କଲା ଲୋକହସା ।
- ଜାରା ମାରିଦେଲା ବାଣ ଯାହାଠାରେ ଯାର ମିଶିଛି ମନ ଲୋ, ସେହି ଜାଣେ ତାର ଗୁଣ ।
- କାଟି ଗଲି କଳାଦୁବ, ଝିଅ ଜନମରେ ଏତିକି ଲାଭ ଲୋ, ବନ୍ଧୁ ଘର ଅରଜିବ ।
- କାଳୀଗାଇ ଧୁଧ କ୍ଷୀରି, ନୂଆ ପୀରତିରେ ମଉଜ ଭାରି ଗୋ, ପୁରୁଣାଟି ନିମ୍ବ ପରି ।
- ଆମ୍ବ ପତ୍ର ଗହଳିଆ, ପ୍ରୀତି ପଙ୍କେ ତୁହି ହେବୁ ଗୋଳିଆଲୋ, ତୋଫା ହେବଟି ଧୁଳିଆ ।
- ଥିରି ଥିରି ଚାଲେ ହାତୀ, ଥୟ ନ ହେଉଛି କିମ୍ପା ଏ ଛାତି ଲୋ, ଥକା ଦୋଳି ହେଲା ରାତି ।
ରଜ ପାଇଁ ବିଶେଷ ଖାଇବା [ସମ୍ପାଦନା]
- ପାନ: ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା ।
- ଚକୁଳି ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ବହଳିଆ ମଣ୍ଡକୁ ତାବାରେ ଭାଜି ତିଆରି କରାଯାଏ । ରଜରେ ଏହି ପିଠା ଖିଆଯାଇଥାଏ ।
- ପୋଡ଼ ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁ ତିଆରି ଆଣ କୁ କଦଳୀ ପତ୍ରରେ ବାନ୍ଧି ଚୁଲି ରେ ରାତି ସାରା ପୋଡ଼ି ପ୍ରସ୍ତୁତ କରାଯାଏ । ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆ ଯାଏ।
ଆଧାର [ସମ୍ପାଦନା]
- ↑ "Raja – One of the chief festivals of Odisha | Odia Express". odiaexpress.in. 2012. http://odiaexpress.in/raja-one-of-the-chief-festivals-of-odisha/. Retrieved 14 June 2012. "First day of Raja is known as the Pahili Raja, then the middle day is Raja Sankranti..."
- ↑ Raja Sankranti
ଅଧିକ ତଥ୍ୟ [ସମ୍ପାଦନା]
- Three-day Raja Festival to begin tomorrow
- Raja,the swing festival
- Raja sankranti
- http://southeastasianreview.com/Rajo%20-%20Swing%20Festival-2.pdf
- http://www.southeastasianreview.com/Rajo_Swing_Festival_Kalinga_India.pdf
|
|||||||||||||