କୃଷ୍ଣ ଜନ୍ମାଷ୍ଟମୀ

ଉଇକିପିଡ଼ିଆ ରୁ
(ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ରୁ ଲେଉଟି ଆସିଛି)
ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ
ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ
ଶାୟିତ ଶ୍ରୀକୃଷ୍ଣ
ଅନ୍ୟ ନାଆଁ ଜନ୍ମାଷ୍ଟମୀ, ଦହିହାଣ୍ଡି
ପାଳନକାରୀ ହିନ୍ଦୁ
ପ୍ରକାର ଧାର୍ମିକ
ପାଳନ ଅଷ୍ଟମୀ ଦିନ କୃଷ୍ଣ ଜନ୍ମ, ନବମୀ ଦିନ ନନ୍ଦୋତ୍ସବ
ପାଳନ ସବୁ ଉପବାସ, ପ୍ରାର୍ଥନା, ଭଜନ, କୀର୍ତ୍ତନ
ଆରମ୍ଭ ଭାଦ୍ରବ କୃଷ୍ଣ ଅଷ୍ଟମୀ
ଶେଷ ଭାଦ୍ରବ କୃଷ୍ଣ ନବମୀ
୨୦୧୩ ତାରିଖ ୨୮ ଅଗଷ୍ଟ
୨୦୧୪ ତାରିଖ ୧୭ ଅଗଷ୍ଟ[୧]
ସମ୍ପର୍କିତ କୃଷ୍ଣ

'ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁ ମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । [୨] [୩] ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ । [୪]

ବୈଶିଷ୍ଟ୍ୟ[ସମ୍ପାଦନା]

ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁ ମାନଙ୍କର ଏହା ହେଇଛି ଏକ ମୂଖ୍ୟ ପର୍ବ । ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ଵାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ । ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ । ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହେଇଛି ଏବଂ ବର୍ତ୍ତମାନ କଳିଭୋଗବ୍ଦ ୫୧୧୩ ଚାଲିଛି । ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ।ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ତାଙ୍କର ଜନ୍ମ ହେଇଥିଲା ।

ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ । ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ । ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ । ବ୍ରହ୍ମା, ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ ।

ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ । ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ । ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ । ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନାକରିଦେଇଥିଲେ । ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ।କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ । ଏଠାରେ ତାଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ ।

ମହାଭାରତ ଯୁଦ୍ଧରେ ଅର୍ଜୁନଙ୍କୁ ନିମିତ୍ତମାତ୍ର କରି ମାନବ ସମାଜକୁ ଯେଉଁ ସାଂଖ୍ୟଯୋଗ, କର୍ମଯୋଗ, ଜ୍ଞାନଯୋଗ ଓ ଭକ୍ତିଯୋଗ ଶିକ୍ଷାପ୍ରଦାନ କରିଛନ୍ତି,ତାହାକୁ ପାଥେୟ କରି ବିଷୟାସକ୍ତ ଅଜ୍ଞାନ ଜୀବ ନିଜର ସାଧାରଣ ଜୀବନରେ ବାସ୍ତବ ସମସ୍ୟାକୁ ଉପଲବ୍ଧି କରି ନିଜକୁ ଉଦ୍ଧାର କରୁଛନ୍ତି । ଏହା ଭଗବତ ଗୀତା ନାମରେ ବିଶ୍ଵ ବିଖ୍ୟାତ । ଭଗବତ ଗୀତା ବିଶ୍ଵ ସାହିତ୍ୟ ଭଣ୍ଡାରରେ ଏକ ଅନନ୍ୟ ସ୍ଥାନ ଅଧିକାର କରିଛି । ଏଥିରେ ରଚିତ ହେଇଥିବା ଭଗବାନ ଶ୍ରୀକୃଷ୍ଣଙ୍କର ମୁଖନିଃସୃତ ବାଣୀ ଦିବ୍ୟ ଓ ସନାତନ ।

ପୌରାଣିକ[ସମ୍ପାଦନା]

ଦ୍ଵାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସ ଦ୍ଵାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ଵାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।

ଓଡ଼ିଶାରେ[ସମ୍ପାଦନା]

ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀମାନଙ୍କ ଭିତରେ ଜନ୍ମାଷ୍ଟମୀ ଅନ୍ୟତମ। ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ।

ଜନ୍ମାଷ୍ଟମୀର ପରବର୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।

ଭାରତରେ[ସମ୍ପାଦନା]

ଉତ୍ତର ପ୍ରଦେଶର ମଥୁରାରେ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥାବାରୁ ଏଠାରେ ଏହି ଉତ୍ସବ ବିଶେଷ ଉଲ୍ଲାସରେ ପାଳିତ ହୋଇଥାଏ । କୃଷ୍ଣଙ୍କର କ୍ରୀଡ଼ାଭୂମୀ ଗୋକୁଳ ଓ ବୃନ୍ଦାବନରେ ଅସଂଖ୍ୟ ଜନଗହଳି ହୋଇଥାଏ ଓ ଏଠାରେ ଏହି ଉତ୍ସବ ପ୍ରାୟ ସାତଦିନବ୍ୟାପି ପାଳିତ ହୋଇଥାଏ। କୁହାଯାଏ ।

ଗୁଜୁରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁତ ଆଡ଼ମ୍ବରରେ ପାଳିତ ହୋଇଥାଏ । ଏହାଛଡ଼ା ପଶ୍ଚିମ ବଙ୍ଗରେ ଶ୍ରୀଚୈତନ୍ୟ ଓ ନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମସ୍ଥାନ ନବଦ୍ୱୀପରେ ମଧ୍ୟ ଜନ୍ମାଷ୍ଟମୀ ହର୍ଷୋଲ୍ଲାସରେ ପାଳିତ ହୋଇଥାଏ । ଲୋକେ ଉପବାସ ରଖି ଶ୍ରୀକୃଷ୍ଣଙ୍କ ଜନ୍ମ ଓ ଲୀଳା ବର୍ଣ୍ଣନାରେ ସମୃଦ୍ଧ ଶ୍ରୀମଦ୍ଭାଗବତର ଦଶମ ସ୍କନ୍ଧ ପଢ଼ିଥାନ୍ତି । ଜାମ୍ମୁଠାରେ ଏହିଦିନ ଗୁଡ଼ି ଉଡ଼ାଇବାର ପ୍ରଥା ରହିଛି । [୫]

ମହାରାଷ୍ଟ୍ର[ସମ୍ପାଦନା]

ଜୟଭାରତ ସେବାସଂଘର ସଦସ୍ୟ ମାନଙ୍କଦେଇ ଗଠିତ ମାନବ ମିନାର ଯାହା ଉପରେ ଲଟକାଯାଇଥିବା ଦହିହାଣ୍ଡିକୁ ଭାଙ୍ଗିବାପାଇଁ ଉଦ୍ୟତ
ଦହିହାଣ୍ଡି ଭାଙ୍ଗିବାକୁ ଗୋବିନ୍ଦ ପାଠକମାନଙ୍କଦେଇ ଗଠିତ ମାନବ ମିନାର

ଜନ୍ମାଷ୍ଟମୀକୁ ମୁମ୍ବାଇ ଏବଂପୁନାରେ ଲୋକେ ଦହି ହାଣ୍ଡି ନାମରେ ବେଶି ଜାଣିଥାନ୍ତି । ଗୋଟିଏ ମାଟିହାଣ୍ଡିରେ ଘୋଳଦହି ପୁରାଇ ଏକ ନିର୍ଦିଷ୍ଟ ଉଚ୍ଚତାରେ ଏହାକୁ ଓହଳାଇ ଦିଆଯାଇଥାଏ । ଏହାପରେ ଲୋକମାନେ ସମୂହ ତିଆରି କରି ଜଣକ ଉପରେ ଜଣେ ଠିଆହୋଇ ଏକ ମିନାର ଗଠନ କରନ୍ତି ଓ ଉପରେ ଥିବା ଲୋକଟି ଏକ ଶକ୍ତ ଜିନିଷରେ ବାଡ଼େଇ ସେହି ହାଣ୍ଡିକୁ ଭାଙ୍ଗିଥାଏ । ଏଥିପାଇଁ ଅନେକ ନଡ଼ିଆ ବ୍ୟବହାର କରିବାକୁ ପସନ୍ଦ କରିଥାନ୍ତି, କାରଣ ନଡ଼ିଆକୁ ହିନ୍ଦୁ ଧର୍ମରେ ଶୁଭ ବୋଲି ଧରାଯାଏ । ହାଣ୍ଡି ଭାଙ୍ଗିଗଲାପରେ ସେଥିରେଥିବା ଦହି ସମସ୍ତଙ୍କ ଉପରେ ବହିଯାଏ । ଏହାକୁ ସାମୂହିକ ପ୍ରଚେଷ୍ଚା ବା ଏକତାର ସଫଳତା ବୋଲି ପ୍ରତୀକାତ୍ମକ ରୂପେ ବିବେଚନା କରାଯାଏ । ସହରର ବିଭିନ୍ନ ସ୍ଥାନରେ ହାଣ୍ଡିର ଆୟୋଜନ ବିଭିନ୍ନ ଗୋଷ୍ଠୀର ଲୋକମାନେ କରିଥାନ୍ତି ଓ ନବଯୁବକ ମାନେ ଏଥିରେ ଭାଗନେଇଥାନ୍ତି । ଏମାନଙ୍କୁ ଗୋବିନ୍ଦ ପାଠକକୁହାଯାଏ । ଏହି ଗୋବିନ୍ଦପାଠକମାନେ ସହର ସାରା ବୁଲି ବୁଲି ଅଧିକରୁ ଅଧିକ ହାଣ୍ଡିଭାଙ୍ଗିବାକୁ ଚେଷ୍ଟା କରିଥାନ୍ତି ।

ଏମାନେ ପରସ୍ପରସହିତ ପ୍ରତିଦ୍ୱନ୍ଦୀତା କରିଥାନ୍ତି । କାରଣ ହାଣ୍ଡିଭାଙ୍ଗିଲେ ସେମାନଙ୍କୁ ଲକ୍ଷ ଲକ୍ଷ ଟଙ୍କାର ପୁରସ୍କାର ମିଳିଥାଏ । କେତେକ ସ୍ଥାନରେ ଏହା ରାଜନୈତିକ ଅଭିସନ୍ଧିଯୁକ୍ତ ହୋଇଥାଏ । ମୁମ୍ବାଇର ଦରବାର, ଲୋୟର ପାରେଲ, ଓର୍ଲି, ମଜଗାଓଁ, ଲାଲବାଗ୍, ଥାଣେ ଓ ପୁଣେରେ ବାବୁ ଗେନୁ, ମଣ୍ଡାଇରେ ଆୟୋଜିତ ହାଣ୍ଡି ପ୍ରସିଦ୍ଧ ।[୬] ଟଙ୍କା ଓ ଉପହାର ମିଳୁଥିବାରୁ ମୁମ୍ବାଇରେ ଆୟୋଜିତ ପାଖାପାଖି ୪୦୦୦ ହାଣ୍ଡିପାଇଁ ପ୍ରାୟ ୨୦୦୦ ଗୋବିନ୍ଦ ଦଳ ପ୍ରତିଯୋଗୀତା କରିଥାନ୍ତି ।

ମଣିପୁର[ସମ୍ପାଦନା]

ମଣିପୁରରେ ଜନ୍ମାଷ୍ଟମୀ କୃଷ୍ଣଜନ୍ମନାମରେ ଲୋକପ୍ରିୟ । ଏହା ରାଜ୍ୟର ରାଜଧାନୀ ଇମ୍ଫାଲର ଦୁଇଟି ମୁଖ୍ୟ ମନ୍ଦିର ଯଥାକ୍ରମେ ଗୋବିନ୍ଦଜୀ ମନ୍ଦିର ଓ ଇସ୍କନ (ଆନ୍ତର୍ଜାତୀୟ କୃଷ୍ଣଚେତନା ସମାଜ) ମନ୍ଦିରରେ ପାଳିତ ଏକ ପ୍ରଧାନ ଉତ୍ସବ । କୃଷ୍ଣଭକ୍ତମାନେ ମୁଖ୍ୟତଃ ଇସ୍କନ ମନ୍ଦିରରେ ଏକାଠି ହୋଇଥାନ୍ତି ।

କର୍ଣ୍ଣାଟକ ଓ ତାମିଲନାଡୁ[ସମ୍ପାଦନା]

କର୍ଣ୍ଣାଟକରେ ମାଧବା, ଆୟେଙ୍ଗାର, ଶ୍ରୀବୈଷ୍ଣବ ଓ ସ୍ମାର୍ତମାନେ ଏଇ ଉତ୍ସବକୁ ବହୁତ ଆଡ଼ମ୍ବର ସହକାରେ ପାଳନ କରିଥାନ୍ତି । ଶ୍ରକୃଷ୍ଣଙ୍କ ପ୍ରତିମାକୁ ଏକ ସୁସଜ୍ଜିତ ମଣ୍ଡପରେ ସ୍ଥାପନା କରି ତାଙ୍କ ଭକ୍ଷଣମ୍ ନାମକ ସ୍ୱତନ୍ତ୍ରରୂପେ ପ୍ରସ୍ତୁତ ପ୍ରସାଦ ଅନ୍ୟାନ୍ୟ ଫଳମୂଳ ସହିତ ଅର୍ପଣ କରାଯାଏ । କର୍ଣ୍ଣାଟକର ଅନ୍ୟ କେତେକ ସ୍ଥାନରେ ଚକଲି, ଅବଲକ୍କି, ବେଲ୍ଲାଡା ପାନକ ଆଦି ପ୍ରସାଦ ଖାସ ଏଇ ପର୍ବପାଇଁ ପ୍ରସ୍ତୁତ କରାଯାଏ । କିମ୍ବଦନ୍ତୀ ଅନୁସାରେ ସୁଦାମା ଶ୍ରୀକୃଷ୍ଣଙ୍କୁ ଅବଲକି ଦେଇଥିବାରୁ ଏଇଦିନ ହାତରନ୍ଧା ଅବଲକି କୃଷ୍ଣଙ୍କର ସଖା ସୁଦାମାଙ୍କ ପାଇଁ ପାଳନ କରାଯାଏ । ଗମକ ବାଚନ ନାମରେ ଆଉ କେତେକ ଧାର୍ମିକ କାର୍ଯ୍ୟକ୍ରମ ଏଇଦିନ ସନ୍ଧ୍ୟାସମୟକୁ ଅନୁଷ୍ଠିତ ହୋଇଥାଏ ।

ଭାରତ ବାହାରେ[ସମ୍ପାଦନା]

ଲଣ୍ଡନର ସ୍ୱାମୀନାରାୟଣ ମନ୍ଦିରରେ ବାଳକୃଷ୍ଣଙ୍କର ଚପଳ ପ୍ରତିମା

କୃଷ୍ଣଜନ୍ମାଷ୍ଟମୀ ପାଳନ କରିବାପାଇଁ ବିଦେଶରେ ସରକାରୀ ସ୍ତରରେ ମଧ୍ୟ ଆଦେଶ ଜାରି କରାଯାଇଅଛି । ଅରିଜୋନା ଏମିତି ଆଦେଶ ଜାରି କରିବାରେ ପ୍ରଥମ । [୭][୮][୯] ତାଙ୍କ ଦେଖାଦେଖି ଅନ୍ୟ ଦେଶମାନେ ମଧ୍ୟ ଏମିତି ଆଦେଶନାମା ଜାରି କରିଛନ୍ତି। [୧୦][୧୧][୧୨]

ଆଧାର[ସମ୍ପାଦନା]

  1. "2014 Krishna Janmashtami Puja Timings for Bhubaneshwar, India". DrikPanchang. http://www.drikpanchang.com/dashavatara/lord-krishna/krishna-janmashtami-date-time.html?l=10502&year=2014. Retrieved 28 July 2014. 
  2. "ଜନ୍ମାଷ୍ଟମୀ". ସୃଜନିକାଙ୍କ ସୌଜନ୍ୟରୁ ଅନଲାଇନ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ. http://www.srujanika.org/dictionary.php?dictid=1&localopt=1&charno=23&spgno=193&epgno=206&spdfno=2863. Retrieved ୫.୮.୨୦୧୨. 
  3. "Sri Krishna Janamashtami celebrated in the city". The Hindu. August 24, 2008. http://www.hindu.com/2008/08/24/stories/2008082458410200.htm. Retrieved 2009-08-12. 
  4. Lord Krishna – an enlightening personality. Satyavidya.org (2009-12-31). Retrieved on 2011-11-10.
  5. "The Festival of Kite Flying in Jammu". http://www.jammu.com/jammu/fairs/kite-flying.htm. 
  6. "Janmashtami celebrated with zeal, enthusiasm". Mid Day. August 24, 2008. http://www.mid-day.com/news/2008/aug/240808-janmashtami-celebrated.htm. Retrieved 2009-08-12. 
  7. Blog Archive » The Governor of Arizona issues Proclamation for Sri Krishna Janmashtami. Dandavats. Retrieved on 2011-11-10.
  8. Blog Archive » ISKCON Devotees greeted by Arizona Governor Janet Napolitano during National Prayer. Dandavats (2008-05-09). Retrieved on 2011-11-10.
  9. Blog Archive » Arizona Governor’s Sri Krishna Janmashtami Proclamation 2008. Dandavats. Retrieved on 2011-11-10.
  10. Houston ISKCON Silver Anni Festival Proclamation. YouTube (2011-08-21). Retrieved on 2011-11-10.
  11. Iskcon Sydney. Iskcon.com.au. Retrieved on 2011-11-10.
  12. Governor’s Executive Orders/Proclamations. Arizona Administrative Register / Secretary of State. Volume 15, Issue 32, Page 1312. August 7, 2009

ଅଧିକ ତଥ୍ୟ[ସମ୍ପାଦନା]