ସାବିତ୍ରୀ ଓଷା

ଉଇକିପିଡ଼ିଆ ରୁ
ଏହି ଲେଖାଟି ଏକ ଓଷା ବାବଦରେ । ବାକିସବୁ ପାଇଁ, ସାବିତ୍ରୀ ପ୍ରସଙ୍ଗଟି ଦେଖନ୍ତୁ ।
ସାବିତ୍ରୀ ଓଷା
ସାବିତ୍ରୀ ଓଷା
ସତ୍ୟବାନଙ୍କ ନିମନ୍ତେ ସାବିତ୍ରୀଙ୍କ ପ୍ରାର୍ଥନା
ଅନ୍ୟ ନାଆଁ ସାବିତ୍ରୀ ବ୍ରତ, ସାବିତ୍ରୀ ଅମାବାସ୍ୟା
ତାରିଖ ଜ୍ୟୈଷ୍ଠ ଅମାବାସ୍ୟା
୨୦୧୩ ତାରିଖ ୮ ଜୁନ
୨୦୧୪ ତାରିଖ ୨୮ ମଇ
୨୦୧୫ ତାରିଖ ୧୭ ମଇ

ସାବିତ୍ରୀ ଓଷା (ଆହୁରି ମଧ୍ୟ ସାବିତ୍ରୀ ବ୍ରତ ବା ସାବିତ୍ରୀ ଅମାବାସ୍ୟା) ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ଓଷା । ସାବିତ୍ରୀ ସାଧ୍ଵୀ ନାରୀଙ୍କର ଆଦର୍ଶ; ତେଣୁ ଏହା ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ, ଏ ଓଷା ପାଳନ କରିଥାନ୍ତି।

ଓଷା ପାଳନ[ସମ୍ପାଦନା]

ଜ୍ୟୈଷ୍ଠ ଅମାବାସ୍ୟାରେ ସାବିତ୍ରୀ ଓଷା ପାଳନ କରାଯାଇଥାଏ । ଏ ଦିନ ସଧବା ସ୍ତ୍ରୀଲୋକମାନେ ଉପବାସ କରନ୍ତି,[୧] ଅନ୍ନ ଗ୍ରହଣ କରନ୍ତି ନାହିଁ ଓ ଅପରାହ୍ଣରେ ପୂଜା ଶେଷ ହେଲେ (ଧୂଆମୁଗ, ନଡ଼ିଆ, କଦଳୀ (ରମ୍ଭା), ଆମ୍ବ, ପଣସ, ସପୁରୀ, ତାଳସଜ ଆଦି) ଫଳାହାର କରନ୍ତି । ଏଥିପାଇଁ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ । ବାସ୍ତବରେ ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା' ସାବିତ୍ରୀ । ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ । ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁକବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା' ସାବିତ୍ରୀଙ୍କୁ ମହିମାନ୍ଵିତ କରାଯାଇଥାଏ ।

କିମ୍ବଦନ୍ତୀ[ସମ୍ପାଦନା]

ମହାଭାରତ ମତେ ମଦ୍ର ଦେଶରେ ଅଶ୍ଵପତି ନାମରେ ଜଣେ ରାଜା ରାଜତ୍ଵ କରୁଥିଲେ । ସେ ସାବିତ୍ରୀଦେବୀଙ୍କୁ କନ୍ୟା ରୂପେ ପାଇବା ପାଇଁ ଏକଦା ଯଜ୍ଞର ଆୟୋଜନ କଲେ । ନିର୍ଦ୍ଦିଷ୍ଟ ସମୟ ଉପନୀତ ଉତ୍ତାରୁ ଦେବୀ ଅଶ୍ଵପତିଙ୍କୁ ଦର୍ଶନ ଦେଇ ଇପ୍‌ସିତ ବର ମାଗିବାକୁ କହିଲେ । ରାଜା ନିଃସନ୍ତାନ ଥିବାରୁ ପୁତ୍ରସନ୍ତାନ ପାଇଁ ଦେବୀଙ୍କ ପାଖରେ ମିନତୀ କଲେ । ଦେବୀ ରାଜାଙ୍କୁ ପୁତ୍ରସନ୍ତାନ ଲାଭ କରିବା ଯୋଗ ନ'ଥିବା ସୂଚାଇ ଦେଲେ ଏବଂ ଏକ ଉତ୍ତମ କନ୍ୟା ହେବାର ଆର୍ଶିବାଦ ଦେଇ ଅନ୍ତର୍ଦ୍ଧାନ ହୋଇଗଲେ । ଉପଯୁକ୍ତ ସମୟରେ ଦେବୀଙ୍କ କୃପାରୁ ଅଶ୍ଵପତିଙ୍କ ପତ୍ନୀଙ୍କ କୋଳରେ କନ୍ୟାଟିଏ ଜାତ ହେଲା । ସାବିତ୍ରୀ (ଗାୟତ୍ରୀ)ଙ୍କୁ ଉପାସନା କରି ତାଙ୍କ ଆଶୀର୍ବାଦରୁ କନ୍ୟା ସନ୍ତାନଟିଏ ଲାଭ କରି ତାହର ନାମ ସାବିତ୍ରୀ ରଖିଥିଲେ । ଗାୟତ୍ରୀ କ୍ରମେ ଯୌବନରେ ପାଦ ଦେବାପରେ ପିତା ଅଶ୍ଵପତିଙ୍କ ଆଦେଶମତେ ନିଜ ଇଚ୍ଛାରେ ବର ଖୋଜିବାକୁ ସମ୍ମତି ପ୍ରକାଶ କରି ସହଚରୀମାନଙ୍କ ସହ ପତି ଅନ୍ଵେଷଣାର୍ଥେ ଭ୍ରମଣ କରିବାକୁ ବାହାରିଲେ ।

ଶାଲ୍ଵଦେଶର ରାଜା ଦ୍ୟୁମତସେନଙ୍କ ଔରସରେ ଶୈବ୍ୟାଙ୍କ ଗର୍ଭରୁ ସତ୍ୟବାନ ଜନ୍ମଗ୍ରହଣ କରିଥିଲେ । ଦୈବୀ ଦୁର୍ବିପାକରୁ ସତ୍ୟବାନଙ୍କ ଶୈଶବାସ୍ଥାରେ ଦ୍ୟୁମତସେନ ଅନ୍ଧ ଓ ଭ୍ରଷ୍ଟରାଜ୍ୟ ହୋଇ ବନବାସୀ ହୋଇ ଥିଲେ। ସତ୍ୟବାନ ବଣରେ ଫଳମୂଳ ଖାଇ ମୁନିବୃତ୍ତି ଅବଲମ୍ବନ କରି ଭକ୍ତି ସହକାରେ ପିତାମାତାଙ୍କର ସେବା କରୁଥିଲେ।

ସାବିତ୍ରୀ ଭ୍ରମଣ କରୁ କରୁ ସେହି ବଣରେ ପହଞ୍ଚି ସତ୍ୟବାନଙ୍କ ଅସୀମ ପିତୃଭକ୍ତି, ଧର୍ମପରାୟଣାତା ଓ ରୂପରେ ମୁଗ୍ଧା ହୋଇ ଐଶ୍ଵର୍ଯ୍ୟ ଭୋଗଲାଳସା ତ୍ୟାଗ କରି ଏହାଙ୍କ ସଙ୍ଗରେ ଜୀବନଯାପନ କରିବା ପାଇଁ ସଂକଳ୍ପ କରି ସତ୍ୟବାନଙ୍କୁ ପତିରୂପେ ମନୋନୀତ କରି ରାଜଧାନୀକୁ ଫେରି ପିତାଙ୍କୁ ଜଣାଇଲେ। ଏହି ସମୟରେ ନାରଦ ଉପସ୍ଥିତ ହୋଇ ସତ୍ୟବାନଙ୍କ ପରମାୟୁ ଆଉ ମାତ୍ର ଏକ ବର୍ଷ ଥିବା ଜଣାଇ, ନିଜ ମତ ବଦଳାଇବାକୁ ସାବିତ୍ରୀଙ୍କୁ ଅନୁରୋଧ କଲେ। ମାତ୍ର ସାବିତ୍ରୀ ଏ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ନିଜ ନିଷ୍ପତ୍ତିରେ ଅଟଳ ରହିଲେ। ଅଗତ୍ୟା ଉଭୟ ପକ୍ଷଙ୍କ ପିତାମାତାଙ୍କ ଅନୁମତି କ୍ରମେ ସାବିତ୍ରୀଙ୍କର ସତ୍ୟବାନଙ୍କ ସହିତ ଯଥାରୀତି ବିବାହ ସମ୍ପନ୍ନ ହେଲା । ବିବାହ ପରେ ସାବିତ୍ରୀ ପିତୃଗୃହର ରାଜ ସମ୍ପଦ, ବିଳାସ ଓ ଦାସଦାସୀ ବର୍ଗଙ୍କୁ ତ୍ୟାଗ କରି ସ୍ଵାମୀଙ୍କ ସହିତ ତପୋବନର କୁଟୀରରେ ରହି ଶାଶୁ ଓ ଶ୍ଵଶୁରଙ୍କ ସେବାରେ ଲାଗିଲେ ।

ବିବାହର ଏକ ବର୍ଷ ପୂରିବାକୁ ତିନି ଦିନ ପୂର୍ବରୁ ସାବିତ୍ରୀ ତ୍ରିରାତ୍ର-ବ୍ରତ ଅବଲମ୍ବନ କଲେ । ଅନନ୍ତର ଯେଉଁଦିନ ଏକ ବର୍ଷ ପୂର୍ଣ୍ଣ ହେବ ଓ ସତ୍ୟବାନଙ୍କର ପରମାୟୁ ଶେଷ ହେବ, ସେ ଦିନ ସତ୍ୟବାନ ଫଳମୂଳ ଓ ସମିଧ ସଂଗ୍ରହ କରିବାକୁ ବଣକୁ ଯିବାବେଳେ ସାବିତ୍ରୀ ତାଙ୍କ ସଙ୍ଗରେ ଗଲେ । ବଣରେ ସତ୍ୟବାନ ଅଶ୍ଵସ୍ତି ବୋଧ କରିବାରୁ ସାବିତ୍ରୀଙ୍କ କୋଳରେ ମୁଣ୍ଡ ରଖି ନିଦ୍ରା ଗଲେ ଓ ତାହାହିଁ ତାଙ୍କର ମହାନିଦ୍ରା (ମୃତ୍ୟୁ) ହେଲା । କିନ୍ତୁ ସାବିତ୍ରୀ ନିଜ ମୃତ ସ୍ଵାମୀଙ୍କ ମସ୍ତକକୁ ନିଜ କ୍ରୋଡ଼ରେ ରଖି ସେହିଠାରେ ବସି ରହିଲେ । ଯମଦୂତମାନେ ସତ୍ୟବାନଙ୍କ ଜୀବ ନେବା ପାଇଁ ଆସି ସାଧ୍ଵୀ ସାବିତ୍ରୀଙ୍କ ନିକଟରୁ ଛଡ଼ାଇ ନେଇ ନ ପାରି ଫେରିଗଲେ। ବିଫଳ ଯମଦୂତଙ୍କ ଠାରୁ ଖବର ପାଇ ନିଜେ ଯମ ଆସି ସେଠାରେ ପହଞ୍ଚି ସତ୍ୟବାନଙ୍କ ଜୀବ ଧରି ବାହାରିଲେ। ସାବିତ୍ରୀ ମଧ୍ୟ ଯମଙ୍କୁ ଅନୁଗମନ କଲେ। ଯମରାଜା ଏହାଙ୍କ ପତିଭକ୍ତି ଓ ସ୍ତୁତିପାଠରେ ତୁଷ୍ଟ ହୋଇ ସତ୍ୟବାନଙ୍କ ବଦଳରେ ତିନୋଟି ବର ଦେବାକୁ ସତ୍ୟକଲେ ସର୍ତ୍ତ ରଖିଲେ ଯେ ସତ୍ୟବାନଙ୍କ ଜୀବନ ବଦଳରେ ଆଉ ଯାହା କିଛି ମାଗି ପାରନ୍ତି । ଏହି କ୍ରମରେ ପ୍ରଥମ ବରରେ ଶ୍ଵଶୁରଙ୍କ ନଷ୍ଟ ଚକ୍ଷୁ ଓ ହୃତ ରାଜ୍ୟ ପୁନଃ ପ୍ରାପ୍ତ, ଦ୍ଵିତୀୟ ବରରେ ନିଜ ପିତାଙ୍କ ପାଇଁ ଏକ ପୁତ୍ର ସନ୍ତାନ ଓ ତୃତୀୟ ବରରେ ନିଜ ଗର୍ଭରୁ ଶତପୁତ୍ର କାମନା କଲେ । ଯମ ତଥାସ୍ତୁ କହି, ଫେରିଯିବାକୁ କହିବାରୁ, ସାବିତ୍ରୀ ସ୍ଵାମୀଙ୍କ ବିନା କିପରି ଶତପୁତ୍ର ପାଇବେ ପଚାରିଲେ, ଅଗତ୍ୟା ନିରୁପାୟ ହୋଇ ସତ୍ୟବାନଙ୍କୁ ପୁନଃ ଜୀବିତ କରାଇ ଆୟୁଦାନ କଲେ ।[୨]

ଟୀକା[ସମ୍ପାଦନା]

ଅଧିକ ତଥ୍ୟ[ସମ୍ପାଦନା]