ଉଇକିପିଡ଼ିଆ:ମାସର ବଛା ଲେଖା/ଅପ୍ରେଲ ୨୦୧୮

ଉଇକିପିଡ଼ିଆ‌ରୁ

ଓଡ଼ିଶା ମାନଚିତ୍ର

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।

ପୁରା ପଢନ୍ତୁ...