ଗଜାନନ ବେଶ
ଗଜାନନ ବେଶ (ଗଣପତି ବେଶ ବା ହାତୀ ବେଶ ବା ଗଣେଶ ବେଶ ଭାବରେ ମଧ୍ୟ ଜଣା) ଦେବସ୍ନାନ ପୂର୍ଣ୍ଣିମା (ଜ୍ୟୈଷ୍ଠ ପୂର୍ଣ୍ଣିମା) ଦିନ ଆନନ୍ଦବଜାରସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ହୋଇଥାଏ ।[୧][୨] ସ୍ନାନ ଯାତ୍ରା ପ୍ରତି ବର୍ଷ ଜ୍ୟୈଷ୍ଠ ମାସ ପୂର୍ଣ୍ଣିମା ତିଥିରେ ପାଳିତ ହେଇଥାଏ ।[୩]
ନୀତି
[ସମ୍ପାଦନା]ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନ ନୀତି ପରେ ଗୋପାଳ ତୀର୍ଥ ମଠ ଓ ରାଘବ ଦାସ ମଠରୁ ଆସିଥିବା ଗଜାନନ ବେଶ ଉପକରଣ ଯଥାକ୍ରମେ ବଳଭଦ୍ର, ଜଗନ୍ନାଥ, ସୁଭଦ୍ରା, ସୁଦର୍ଶନଙ୍କୁ ଲାଗି କରାଯାଏ । ଗଜାନନ ବେଶ ସମ୍ପର୍କରେ ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଉଲ୍ଲେଖ ଅଛି ଯେ, ସ୍ନାନ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ଜଳ ଲାଗି ନୀତି ବଢିବା ପରେ ଲେଙ୍କା ଓ ଘଣ୍ଟ କାହାଳୀ ସହ ଗୋପାଳତୀର୍ଥ ମଠରୁ ବଡ଼ ବାଡ଼ (ବଳଭଦ୍ରଙ୍କ ବାଡ଼) ଓ ଶ୍ରୀସୁଦର୍ଶନଙ୍କର ଗଜାନନ ବେଶ ଉପକରଣମାନ ଆଣିବାକୁ ଯାଆନ୍ତି । ଏହା ପରେ ଗଜପତି ମହାରାଜା କିମ୍ବା ତାଙ୍କ ଅନୁପସ୍ଥିତରେ ମୁଦିରଥ ତିନି ବାଡ଼ରେ ରାଜ ନୀତି କରନ୍ତି । ରାଜ ନୀତି ବଢିବା ପରେ ସ୍ନାନ ମଣ୍ଡପରେ ଛେରା ପହଁରା ହୋଇଥାଏ । ତତ୍ପରେ ସୁଆରବଡୁ ସେବକ ପାଣି ପକାନ୍ତି । ପାଣି ପଡ଼ିଲା ପରେ ଜଗମୋହନରେ ଥିବା ବଡ଼ବାଡ଼ର (ବଳଭଦ୍ର) ବେଶ ଉପକରଣ ଓ ରାଘବ ଦାସ ମଠରୁ ଆସିଥିବା ଅନ୍ୟ ଦୁଇ ବାଡ଼ (ଜଗନ୍ନାଥ, ସୁଭଦ୍ରା)ର ବେଶ ଉପକରଣମାନ ସ୍ନାନ ମଣ୍ଡପରେ ରଖାଯାଏ । ଭିତରଚ୍ଛ, ଚଳିଚ୍ଛ, ପୁଷ୍ପାଳକ,ଖୁଣ୍ଟିଆ, ଦଇତାପତିମାନଙ୍କ ସହ ତିନିବାଡ଼ରେ ହାତୀ ବେଶ କରନ୍ତି । ବେଶ ବଢିବା ପରେ ତିନି ବାଡ଼ରେ କର୍ପୂର ଲାଗି ହୋଇଥାଏ ଏବଂ ପରେ ପରେ ସ୍ନାନ ବେଦୀ ଉପରେ ଶୋଧ କରାଯାଏ ଓ ଭୋଗ ପାଇଁ ପ୍ରସ୍ତୁତି ହୋଇଥାଏ । ସୂଚନାଯୋଗ୍ୟ ଯେ ଏହି ଦିନ ମାତ୍ର ଗୋଟିଏ ଭୋଗ ହୋଇଥାଏ । ଭୋଗ ଶେଷ ପରେ ସ୍ନାନ ବେଦୀ ଉପରକୁ ସର୍ବସାଧାରଣଙ୍କୁ ଦର୍ଶନ ନିମିତ୍ତ ଅନୁମତି ଦିଆଯାଏ ।
କିମ୍ବଦନ୍ତୀ
[ସମ୍ପାଦନା]ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜନୈକ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ । ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ୱରଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି । ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ୱରୂପ ଏହି ବେଶ ହୋଇ ଆସୁଛି । [୪]
ଆଧାର
[ସମ୍ପାଦନା]- ↑ Mohapatra, Debabrata (2011). "The skies rain down for divine bath - Times Of India". indiatimes.com. Archived from the original on 2013-09-28. Retrieved 25 June 2013.
the deities were decorated in elephant attire symbolizing the incarnation of Lord Ganesha
- ↑ "ଆର୍କାଇଭ୍ କପି". Archived from the original on 2015-06-07. Retrieved 2013-05-18.
{{cite web}}
: Cite has empty unknown parameter:|1=
(help) - ↑ "Lavish bath before sickroom stay". telegraphindia.com. 2013. Retrieved 25 June 2013.
The festival is observed on the full moon day of the Odia month of Jyestha
- ↑ http://orissa.gov.in/e-magazine/Orissareview/2012/June/engpdf/14-24.pdf
ଅଧିକ ତଥ୍ୟ
[ସମ୍ପାଦନା]- ଗଜପ୍ତି ବେଶର ତିନୋଟି ରହସ୍ୟ Archived 2021-09-27 at the Wayback Machine.