ଗଜ ଉଦ୍ଧାରଣ ବେଶ

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ଏହି ଲେଖାଟି 'ଗଜ ଉଦ୍ଧାରଣ ବେଶ' ବାବଦରେ । ବାକିସବୁ ପାଇଁ, ଜଗନ୍ନାଥଙ୍କ ବେଶ ପ୍ରସଙ୍ଗଟି ଦେଖନ୍ତୁ ।

ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ ।[୧][୨] ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ଵଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । [୩][୪] ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । [୫] ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।

ବେଶ[ସମ୍ପାଦନା]

ଗଜଉଦ୍ଧାରଣ ବେଶ ଦି’ପହର ଧୂପ ସରିବା ପରେ ହୋଇ ସନ୍ଧ୍ୟାରେ ସାହାଣ ମେଲା ହେବା ଯାଏ ରହିଥାଏ । ଗଜ ଉଦ୍ଧାରଣ ବେଶର ବିଶେଷତ୍ଵ ହେଲା ଏହି ବେଶରେ ଜଗନ୍ନାଥବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ଵିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ଼ ଉପରେ ବସିଥିବା ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ। ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି ଶ୍ରୀ ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ଵ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ (ବାମ) ଓ ମୂଷଳ (ଦକ୍ଷିଣ) ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି। ଦେବୀଙ୍କ ହସ୍ତଦ୍ଵୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ ।ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତା’ର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ ।

ଅଳଙ୍କାର[ସମ୍ପାଦନା]

ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । ଏହି ବେଶ ସମୟତକ ରତ୍ନସିଂହାସନରେ ଶୋଭା ପାଉଥିବା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯାଏ ।

ଭୋଗ[ସମ୍ପାଦନା]

କ୍ଷୀରିଅମାଲୁ ସ୍ଵତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।

ଆଧାର[ସମ୍ପାଦନା]

ବାହାର ଆଧାର[ସମ୍ପାଦନା]