ଦୁର୍ଗା ପୂଜା

ଉଇକିପିଡ଼ିଆ ରୁ
Jump to navigation Jump to search
ଦୁର୍ଗା ପୂଜା
Chaudhury Bazar Chandi Medha.jpg
ଚୌଧୁରୀ ବଜାର ଚାନ୍ଦି ମେଢ଼
ନାମ ଦୁର୍ଗା ପୂଜା
ଅନ୍ୟ ନାମ ନବରାତ୍ରୀ, ବିଜୟାଦଶମୀ
ପାଳନକାରୀ ହିନ୍ଦୁ ଧର୍ମାମ୍ବଲମ୍ବୀ
ପ୍ରକାର ହିନ୍ଦୁ, ଭାରତୀୟ
ଆରମ୍ଭ ଆଶ୍ୱିନ ଶୁକ୍ଳପକ୍ଷ ଷଷ୍ଠୀ
ଶେଷ ଆଶ୍ୱିନ ଶୁକ୍ଳପକ୍ଷ ଦଶମୀ
୨୦୧୭ ତାରିଖ ୨୬ ସେପ୍ଟେମ୍ବର - ୩୦ ସେପ୍ଟେମ୍ବର
୨୦୧୮ ତାରିଖ ୧୫ ଅକ୍ଟୋବର - ୧୯ ଅକ୍ଟୋବର
ସମ୍ପର୍କିତ ଦଶହରା

ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । [୧]

କିମ୍ବଦନ୍ତୀ[ସମ୍ପାଦନା]

ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍‌ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି । ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ I ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।

ଦେବୀ ମାହାତ୍ମ୍ୟ’ ମତେ: ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ । ଦେବୀପୀଠଗୁଡ଼ିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ । ଏହାକୁ ଷୋଳପୂଜା କୁହାଯାଏ । ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ । ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ । ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର । ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ । ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଅଛି I ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ । ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ I ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ I ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ । ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି । ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି I କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ । ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ I ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ I ଦଶହରା ଦିନ ଗୁରୁବାର ପଡ଼ିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନ କରି ଗୃହଲକ୍ଷ୍ମୀଙ୍କ ପୂଜା କରନ୍ତି I ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ I ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ I ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ । ତାଙ୍କର ‘କ୍ଷର’ ବା ଶେଷ ନଥିବାରୁ ସେ ‘ଅକ୍ଷରା’ I[୨]

ଦେବୀ ଭାଗବତର ମତେ, ରାବଣର ନିଧନ ପାଇଁ ବ୍ରହ୍ମାଙ୍କ ପରାମର୍ଶ ମତେ ଶ୍ରୀରାମ ବସନ୍ତ କାଳରେ ଦେବୀପୂଜା କରିବାକୁ ଚାହିଁଲେ। କାରଣ, ଶରତକାଳ ଅକାଳ, ଆଷାଢ଼ ଶୁକ୍ଳ ଏକାଦଶୀ (ହରିଶୟନ ଏକାଦଶୀ) ଠାରୁ ହେମନ୍ତ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଦେବତାମାନେ ନିଦ୍ରା ଯାଆନ୍ତି । ବ୍ରହ୍ମାଙ୍କ ନିର୍ଦ୍ଦେଶ ମତେ ଶ୍ରୀରାମଚନ୍ଦ୍ର କନ୍ୟାରାଶିର ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଦେବୀଙ୍କ ଅକାଳ ବୋଧନ ନିମନ୍ତେ ପୂଜାର ଆୟୋଜନ କରିଥିଲେ । ଶ୍ରୀରାମ ଧ୍ୟାନ ବଳରେ, ଦେବୀ କୁମାରୀ ରୂପରେ ବିଲ୍ଵବୃକ୍ଷ ଶାଖାରେ ଶାୟିତ ଥିବା ଜାଣିପାରି, ସକାଳେ କଳ୍ପାରମ୍ଭ ଓ ସନ୍ଧ୍ୟାବେଳେ ବିଲ୍ଵବୃକ୍ଷମୂଳେ ଆରମ୍ଭ କଲେ ଦେବୀଙ୍କ୍ ବୋଧନ । ଏହାପରେ ସପ୍ତମୀ ତିଥିରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ । ସେତେବେଳେ ମଧ୍ୟ ଦେବୀ ସୁପ୍ତ ଅବସ୍ଥାରେ ଥିବାରୁ ଅଷ୍ଟମୀ ତିଥିରେ ଯୋଗିନୀଗଣଙ୍କୁ ଆହ୍ଵାନ କରି ଦେବୀଙ୍କୁ ପୁଣି ପୂଜା କଲେ । ଆଗତ ଯୋଗିନୀଗଣଙ୍କ କୋଳାହଳରେ ଦେବୀ କେବଳ କଡ଼ ଲେଉଟାଇ ପୁଣି ଶୋଇଲେ । ଏହା ପରେ ଅଷ୍ଟମୀର ଶେଷ ଓ ନବମୀର ଆରମ୍ଭ ବା ସନ୍ଧିକ୍ଷଣ ସମୟରେ ଶ୍ରୀରାମଚନ୍ଦ୍ର କଲେ ସନ୍ଧିପୂଜା । ଅଷ୍ଟମୀର ଚବିଶ ମିନଟ ଓ ନବମୀର ଚବିଶ ମିନଟ, ଏହିପରି ମୋଟ ଅଠଚାଳିଶ ମିନଟ ଧରି ଦେବୀ ଚାମୁଣ୍ଡାଙ୍କର ଏହି ବିଶେଷ ସନ୍ଧିପୂଜା କରିଥିଲେ । ଶ୍ରୀରାମ ଚାମୁଣ୍ଡାଙ୍କୁ ଆବାହନ କରି ଦେବୀ ଦୁର୍ଗାଙ୍କୁ ଉଠାଇବା ପାଇଁ ନିବେଦନ କଲେ । ଚାମୁଣ୍ଡାଙ୍କ ସହଯୋଗ ଫଳରେ ନବମୀ ତିଥିରେ ଦେବୀ ଦୁର୍ଗା ଜାଗ୍ରତ ହେଲେ । ଏତିକିବେଳେ ସେ ଦେବୀଙ୍କୁ କୁମାରୀ ରୂପରେ ଦର୍ଶନ କରି ଯୋଗିନୀମାନଙ୍କ ସହିତ ବିଶେଷ ପୂଜା କରି ଏକାସାଙ୍ଗେ ଶହେଆଠ ନୀଳପଦ୍ମ ଅର୍ପଣ କରିଥିଲେ । ସେହି ଦିନଠାରୁ କୁମାରୀ ରୂପୀ ଦେବୀଙ୍କର ପୂଜାର ଆରମ୍ଭ । [୩]

ଘଟପୂଜା ପରମ୍ପରା[ସମ୍ପାଦନା]

ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ । ବିଭିନ୍ନ ଭାବରେ ମୂର୍ତ୍ତିପୂଜାର ଆଦର ବଢିଥିଲେ ମଧ୍ୟ ମୂଳ ତତ୍ତ୍ୱକୁ ବାଦ ଦେବା ସମ୍ଭବ ହୋଇନାହିଁ । ବାସନ୍ତୀ ଦୁର୍ଗାପୂଜା ବିଶେଷ ଭାବେ ପାଳିତ ହୋଇ ନ ଥାଏ । ଅନ୍ୟପକ୍ଷରେ ଶରତକାଳୀନ ଦୁର୍ଗାପୂଜା ଏବେ ସାର୍ବଜନୀନ ପୂଜାର ସ୍ୱୀକୃତି ପାଇଛି, କିନ୍ତୁ ଉଭୟ ପୂଜା ଏବଂ ତା’ର ବିଧାନ ପ୍ରାୟତଃ ସମାନ ।

ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡ଼ିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ । ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ I ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି ।

ପୁରୀ ଗୋସାଣୀ ଯାତର ସର୍ବ ବୃହତ୍ତମ ଦୂର୍ଗା ମୂରତି, ବାରବାଟୀ ଗୋସାଣୀ

ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା । ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି । କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି । ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ । ତାହା ହେଉଛି କ୍ଷିତ୍, ଅପ୍, ମରୁତ୍ ଏବଂ ବ୍ୟୋମ୍ । ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା । କାରଣ ଏହି ମାଟି ତାକୁ ରହିବା ପାଇଁ ଆଶ୍ରୟ ଦେଲା ଏବଂ ସେହିମାଟିରୁ ଉତ୍ପାଦିତ ଫଳ ଖାଇ ସେ ବଞ୍ଚିଲା । ସେହିପରି ଜଳ (ଅପ୍)କୁ ଜୀବନ ବୋଲି କହିଲା । ସେ ଜାଣିଥିଲା ଜଳ ବିନା ଜୀବନ ଅସମ୍ଭବ । ତେଣୁ ଭିନ୍ନ ଭିନ୍ନ ଜଳାଶୟ ବା ନଦୀକୂଳରେ ଗଢିଉଠିଲା ଜନବସତି । ପରବର୍ତ୍ତୀ ସମୟରେ କେତେକ ନଦୀ ତୀର୍ଥକ୍ଷେତ୍ର ରୂପେ ପରିଗଣିତ ହେଲେ । ତେଜର ମୂର୍ତ୍ତିମନ୍ତ ରୂପ ସୂର୍ଯ୍ୟଙ୍କୁ ଈଶ୍ୱର ଭାବେ ଗ୍ରହଣ କରାଗଲା । ଅବଶ୍ୟ ଅଗ୍ନିକୁ ଗ୍ରହଣ କଲା ଏହାପରେ । ପବନ (ମରୁତ) ଏବଂ ଆକାଶ (ବ୍ୟୋମ)କୁ ମଧ୍ୟ ନିଜର ପୂଜ୍ୟ ଭାବେ ସ୍ୱୀକୃତି ଦିଆଗଲା । ସମୟର ଧାରାରେ ଏହି ପଞ୍ଚଭୂତ ଯାହା ସହ ସମ୍ପର୍କିତ ସେମାନଙ୍କୁ ମଧ୍ୟ ଈଶ୍ୱରୀୟ ସତ୍ତାର ଅଂଶ ବା ଈଶ୍ୱର ଭାବେ ଗ୍ରହଣ କରାଯାଇଛି । ଯେପରି ବୃକ୍ଷକୁ ବୃକ୍ଷଦେବତା ଏବଂ ଶିଳା, ଧାତୁ ପ୍ରଭୃତି ପୂଜନୀୟ ହେଲେ । ଏହି ମହାପଞ୍ଚଭୂତମନଙ୍କ ଧର୍ମଗତ ସ୍ୱଭାବ ହେଲା- ଶବ୍ଦ, ସ୍ପର୍ଶ, ରୂପ, ରସ ଏବଂ ଗନ୍ଧ । ପୁନଃ ଏଗୁଡ଼ିକ ଆମର ପଞ୍ଚଇନ୍ଦ୍ରୀୟ ଅର୍ଥାତ୍ କର୍ଣ୍ଣ, ଚର୍ମ, ଚକ୍ଷୁ, ଜିହ୍ଵା ଓ ନାସାଦ୍ୱାରା ଗୃହିତ ହୋଇଥାନ୍ତି ।

ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ । ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ । ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ । ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ଯ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ । ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ ।[୪]

ନବମୀରେ କୁମାରୀ ପୂଜା[ସମ୍ପାଦନା]

ଶ୍ରୀରାମଚନ୍ଦ୍ର ରାବଣଙ୍କୁ ବଧ କରିବା ପାଇଁ ଶରତ କାଳରେ ଶ୍ରୀ ଶ୍ରୀ ଦୁର୍ଗାପୂଜା କରିଥିଲେ । ଏହାକୁ ‘ଅକାଳବୋଧନ’ କୁହାଯାଏ । କାରଣ ଶରତକାଳ ସୂର୍ଯ୍ୟ ଦକ୍ଷିଣାୟନ କରନ୍ତି । ଶ୍ରାବଣ ମାସରୁ ପୌଷମାସ ସୂର୍ଯ୍ୟଙ୍କ ଦକ୍ଷିଣାୟନ; ମାଘରୁ ଆଷାଢ଼ ସୂର୍ଯ୍ୟଙ୍କର ଉତ୍ତରାୟନ । ଦକ୍ଷିଣାୟନ ଦେବତାଙ୍କର ରାତ୍ରି । ତେଣୁ ଉତ୍ତରାୟନ ଦେବତାଙ୍କ ଆରାଧନାର ପ୍ରକୃଷ୍ଟ ସମୟ । ରାବଣ, ବ୍ରହ୍ମାଙ୍କ ବରରେ ଅପାରଶକ୍ତିର ଆଧିକାରୀ ହୋଇଥିବାରୁ ତାଙ୍କୁ ବଧ କରିବା ନିମନ୍ତେ ଦେବୀଙ୍କ କୃପା ଆବଶ୍ୟକ । ତେଣୁ ବ୍ରହ୍ମା ଶ୍ରୀରାମଚନ୍ଦ୍ରଙ୍କୁ ଶରତ କାଳରେ ଦେବୀଙ୍କ କଳ୍ପାରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ । ଶ୍ରୀରାମଚନ୍ଦ୍ର ଦ୍ୱନ୍ଦ୍ୱରେ ପଡ଼ିଲେ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କର ନିର୍ଦ୍ଦେଶ ଓ ଦେବଦେବୀଙ୍କର ଦକ୍ଷିଣାୟନ । ଦେବୀ ଜାଗ୍ରତ ନା ନିଦ୍ରିତ ? ଦେବୀ ଏବେ ଆବିର୍ଭୂତ ହେବେ ତ ? ତେଣୁ ସେ ଧ୍ୟାନମଗ୍ନ ହୋଇ ଜାଣିପାରିଲେ ଦେବୀ ତ୍ରିଶାଖା ବିଲ୍ୱଦଳରେ ‘କୁମାରୀ’ କନ୍ୟା ରୂପେ ଶାୟିତ । ଏହି ଦୃଶ୍ୟ ଅବଲୋକନ କରି ବିଭୋର ହେଲେ ଶ୍ରୀରାମଚନ୍ଦ୍ର । ଦେବୀଙ୍କୁ ଜାଗ୍ରତ କରାଇବେ ।ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଷଷ୍ଠୀଦିନ ‘ବିଲ୍ୱାଧିବାସ’ କଲେ ଶ୍ରୀରାମଚନ୍ଦ୍ର । ଷଷ୍ଠୀପରେ ସପ୍ତମୀରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ମଧ୍ୟ ଦେବୀଙ୍କର ନିଦ୍ରାଭଙ୍ଗ ହେଲାନି । ଅଷ୍ଟମୀରେ ଯୋଗିନୀମାନଙ୍କୁ ଡାକି ବିଶେଷ ପୂଜାକରିଲେ ଶ୍ରୀରାମ । ତେଣୁ ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ(୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ । ଚାମୁଣ୍ଡା ଦେବୀଙ୍କ ସହାୟତାରେ ଶ୍ରୀରାମଚନ୍ଦ୍ର ଏହି ‘ସନ୍ଧିପୂଜା’ କରିଥିଲେ । ଏହି ପୂଜା ପରେ ଅର୍ଥାତ୍‌ ନବମୀ ଦିନ ଦେବୀ ଜାଗ୍ରତ ହେଲେ ଏବଂ ପୁନର୍ବାର ‘କୁମାରୀ’ ରୂପରେ ଶ୍ରୀରାମଚନ୍ଦ୍ରଙ୍କୁ ଦର୍ଶନ ଦେଲେ । ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି । କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି ‘ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ’ ଅର୍ଥାତ୍‌ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ବିଶେଷ ଭାବରେ ପ୍ରକାଶିତ । ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନ ହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ । ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ। କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ । ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ । ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର ।[୫]

ପୂଜାବିଧି[ସମ୍ପାଦନା]

ଚୌଧୁରୀ ବଜାର,କଟକ

ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।

  • ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ଙ୍କୁ ସ୍ଵାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ।
  • ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ଵାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି ।[୬] ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।
  • ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ । ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ । ଏହି ସମୟରେ ମା’ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ ଶାଢ଼ୀ, ଫେଣୀ ଇତ୍ୟାଦି ଆଣି ମା’ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।
  • ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।
  • ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ଵାତନ୍ତ୍ର । ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳାମାନେ ସିନ୍ଦୁର ଖେଳ କରିଥାନ୍ତି । ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।

ଆଧାର[ସମ୍ପାଦନା]

  1. http://www.theholidayspot.com/durgapuja/akalbodhan.htm
  2. ସମାଜ ରବିବାର, ପୃଷ୍ଠା- ୭, ଅକ୍ଟୋବର ୨୧- ୨୭, ୨୦୧୨
  3. ଗିରିଜା ମଞ୍ଜରୀ ପାଢ଼ୀ, ଧରିତ୍ରୀ, ୨୨-୧୦-୧୨, ପୃଷ୍ଠା: ୨
  4. ଧରିତ୍ରୀ, ତା:୦୭/୧୦/୨୦୦୮, ପୃଷ୍ଠା: ୦୬
  5. ସ୍ନିଗ୍ଧା ଗୋସ୍ୱାମୀ, ସମାଜ ରବିବାର, ପୃଷ୍ଠା-୩, ୨୦୧୪ ସେପ୍ଟେମ୍ବର ୨୮-ଅକ୍ଟୋବର ୪
  6. ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ, ପୃଷ୍ଠା: ୪୧୩୪

ଅଧିକ ତଥ୍ୟ[ସମ୍ପାଦନା]