ପଣା ସଂକ୍ରାନ୍ତି
ପଣା ସଂକ୍ରାନ୍ତି | |
---|---|
ନାମ | ମହାବିଷୁବ ସଂକ୍ରାନ୍ତି |
ଅନ୍ୟ ନାମ | ଜଳ ସଂକ୍ରାନ୍ତି, ଠେକି ବସା ସଂକ୍ରାନ୍ତି, ଛତୁଆ ସଂକ୍ରାନ୍ତି |
ପାଳନକାରୀ | ହିନ୍ଦୁ |
ପ୍ରକାର | ଧାର୍ମିକ |
ତାରିଖ | ବୈଶାଖ ସଂକ୍ରାନ୍ତି |
୨୦୨୩ ତାରିଖ | ୧୪ ଅପ୍ରେଲ |
୨୦୨୪ ତାରିଖ | ୧୪ ଅପ୍ରେଲ (ରବିବାର) |
ସମ୍ପର୍କିତ | ଓଡ଼ିଆ ନବବର୍ଷ |
ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ ।[୧] ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।
ପାଳନ
[ସମ୍ପାଦନା]ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ ।[୨] ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।
ବିଶେଷତ୍ୱ
[ସମ୍ପାଦନା]ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।[୩] ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।[୪]
ଆହୁରି ଦେଖନ୍ତୁ
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ ବିଶ୍ୱାଳ, ପ୍ରଦୀପ୍ତ (14 April 2014). "ଓଡ଼ିଆ ନବବର୍ଷ". ଧରିତ୍ରୀ. Retrieved 20 April 2017.
- ↑ Bhagabana Sahu (1 January 1997). Cultural history of Orissa, 1435-1751. Anmol Publications, Publishers & Distributors. ISBN 978-81-7488-654-5.
- ↑ ଖଟାଇ, ଭାସ୍କର ଚନ୍ଦ୍ର. "ମହାବିଷୁବ ସଂକ୍ରାନ୍ତିର ବୈଶିଷ୍ଟ୍ୟ(ଭାଗ-୧)". Odisha Katha. Archived from the original on 5 March 2016. Retrieved 2 August 2014.
- ↑ ସମାଜ,୧୩ ଅପ୍ରେଲ ୨୦୧୨, ପୃଷ୍ଠା:୨
ଅଧିକ ତଥ୍ୟ
[ସମ୍ପାଦନା]- http://www.hindu-blog.com/2009/04/maha-vishuba-sankranti-orissa-new-year.html oriya new year
- http://www.aryabhatt.com/fast_fair_festival/Festivals/Visuva%20Sankranti.htm New year in Utkal
- http://homeoriyafood.blogspot.com/2009/04/pana-sankranti.html making of pana,the cooling drink on new year