ବାଜି ରାଉତ

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ବାଜି ରାଉତ
ଜନ୍ମ ଓ ଜନ୍ମସ୍ଥାନ ୫ ଅକ୍ଟୋବର ୧୯୨୬(1926-10-05)
ନୀଳକଣ୍ଠପୁର, ଢେଙ୍କାନାଳ ଜିଲ୍ଲା
ମୃତ୍ୟୁ ୧୧ ଅକ୍ଟୋବର, ୧୯୩୮ (୧୨ ବର୍ଷ)
ନୀଳକଣ୍ଠପୁର, ଢେଙ୍କାନାଳ ଜିଲ୍ଲା
ଜାତୀୟତା ଭାରତୀୟ
ଅଲଗା ନାଆଁ ବାଜିଆ
ପ୍ରସିଦ୍ଧି କନିଷ୍ଠ ସ୍ଵାଧୀନତା ସଂଗ୍ରାମୀ
ବାପା ମା ହରି ରାଉତ

ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ । [୧] ସେ ହେଉଛନ୍ତି ଭାରତର କନିଷ୍ଠତମ ଶହୀଦ ।[୨]

ପରିବାର[ସମ୍ପାଦନା]

୧୯୨୬ ମସିହା ଅକ୍ଟୋବର ୫ ତାରିଖ ଦି ବାଜି ରାଉତ ଢେଙ୍କାନାଳ ଜିଲ୍ଲାର ନିଳକଣ୍ଠପୁର ଗ୍ରାମରେ ଏକ ଗରିବ ଖଣ୍ଡାୟତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ସେ ପିଲା ବେଳୁ ବାପାଙ୍କୁ ହରାଇ ମା'ଙ୍କଦ୍ୱାରା ପ୍ରତିପାଳିତ ହେଉଥିଲେ । ପରିବାରରେ ଚାଷବାଷ ସକାଶେ ଜମି ନ ଥିଲା । ମା’ ଅନ୍ୟଘରେ ପାଇଟିକରି ତାଙ୍କୁ ପାଳୁଥିଲେ । ହେତୁ ପାଇଲା ପରେ ସେତେବେଳର ଢେଙ୍କାନାଳର ରାଜା ଶଙ୍କର ପ୍ରତାପ ସିଂହଦେଓ ଗରିବମାନଙ୍କ ଉପରେ ଅତ୍ୟାଚାର କରୁଥିବାର ସେ ଅନୁଭବ କରିଥିଲେ । ପରେ ଢେଙ୍କାନାଳର ବୈଷ୍ଣବ ଚରଣ ପଟ୍ଟନାୟକ (ବୀର ବୈଷ୍ଣବ ନାମରେ ଜଣା) ଯେତେବେଳେ ରାଜାଙ୍କ ବିରୋଧରେ ପ୍ରଜାମଣ୍ଡଳ ଆରମ୍ଭ କଲେ ସେତେବେଳେ ବାଜି ସେହି କୋମଳ ବୟସରେ ସେଥିରେ ଯୋଗ ଦେଇଥିଲେ । ସେ ଇଂରେଜମାନଙ୍କୁ ଡଙ୍ଗାରେ ନଦୀ ପାରିକରିବାକୁ ମନା କରି ସେମାନଙ୍କ ହାତରେ ଜୀବନ ଦେଇଥିଲେ ।[୩]

ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟ[ସମ୍ପାଦନା]

ଇଂରେଜ ସରକାରଙ୍କ ରାଜତ୍ଵ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ଗଡଜାତ ରାଜ୍ୟର ରାଜା ତଥା ପାରିଷାଦବର୍ଗଙ୍କ ଯାବତିୟ ଅନ୍ୟାୟ, ଅତ୍ୟାଚାର, ଶୋଷଣ, ବେଠି, ବେଘାରି, ଯୋରଜବରଦସ୍ତ ଟିକସ ଅସୁଲ, ମନମୁଖିଶାସନ, ମିଥ୍ୟା ମୋକଦ୍ଦମା ପ୍ରଭୁତିରେ ଜର୍ଜରିତ ହେଉଥିଲେ ଗଡଜାତବାସୀ । ସମୟେ ସମୟେ ଗଡଜାତ ଅଞ୍ଚଳରେ ଏହି ଶୋଷଣ କଷଣରେ ଫଳସ୍ଵରୁପ ପୁଞ୍ଜୀଭୁତ ଅସନ୍ତୋଷ କ୍ରମଶଃ ବୃଦ୍ଧି ପାଇ ବିସ୍ପୋରଣର ରୁପ ଧାରଣ କରୁଥିଲା, କିନ୍ତୁ ଇଂରେଜ ସରକାର ତାହାକୁ କଳେବଳେ କୌଶଳେ ଦମନ କରୁଥିଲେ । ଏହିସବୁ ଗଡଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡନ ସୃଷ୍ଟି କରିଥିଲା ।

୧୯୩୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଅନ୍ଧାରିଆ ରାତିରେ ପ୍ରଜାମଣ୍ଡଳର କେତେଜଣ ସ୍ଵେଚ୍ଛାସେବୀଙ୍କ ସହ ବ୍ରାହ୍ମଣୀ ନଦୀ ଘାଟରେ ଡଙ୍ଗା ଜଗି ରହିଥିଲେ ବାଳକ ବାଜି ରାଉତ । ସେ ପ୍ରଜାମଣ୍ଡଳର ସିପାହୀ ସାଜିଛନ୍ତି । ଘାଟ ଡଙ୍ଗା ଜଗିବା ସେଦିନ ତାଙ୍କର ପାଳିଥିଲା । କାରଣ ପ୍ରଜାମଣ୍ଡଳର ହୁକୁମ ଥିଲା, ନଦୀଘାଟରୁ ଦୁରରେ ଡଙ୍ଗା ଲୁଚେଇ ରଖିବ, ଗୋରା ଫଉଜ ମାନେ ଯେପରି ନଦୀ ପାର ନହୁଅନ୍ତି, ସେମାନଙ୍କ ଗତିବିଧି ଉପରେ ନଜର ରଖି କ୍ୟାମ୍ପକୁ ଖବର ଦେବ, ଆଉ ପ୍ରଜାମଣ୍ଡଳର ସାଥୀଙ୍କୁ ନିରାପଦରେ ପାରି କରାଇବ । ଆଶଙ୍କା କୁ ସତ କରି ପୋଲିସ ମାନେ ପ୍ରଜା ମଣ୍ଡଳ ଆନ୍ଦୋଳନ ଦମନ କରିବାକୁ ଆସିଲେ । ମାତ୍ର ସେମାନଙ୍କ ଆଦେଶ ସତ୍ତ୍ୱେ ବାଜି ରାଉତ ଘାଟରୁ ଡ଼ଙ୍ଗା ଫିଟାଇଲେ ନାହିଁ । ପୋଲିସର ଧମକ ଚମକ ସତ୍ତ୍ୱେ କିଛି ଲାଭ ନହେବାରୁ, ସେମାନେ ତାଙ୍କୁ ସେଇଠି ଗୁଳି କରି ହତ୍ୟା କଲେ । ବାଜି ରାଉତଙ୍କ ଚିତ୍କାରରେ ସେତେବେଳକୁ ଅନେକ ଲୋକ ଆସିଯାଇଥିଲେ । ସେମାନେ ଡଙ୍ଗା ବାନ୍ଧି ପକାଇ ରଖିଲେ । ପୋଲିସ ମାନେ ଆଉ କିଛି ନକରି ଛୁରୀରେ ଡଙ୍ଗା ଦଉଡି କାଟି ମଝି ନଈକୁ ଡଙ୍ଗା ବୋହିନେଲେ । ଡଙ୍ଗା ମଝି ନଈରେ ଥିବା ବେଳେ ସେମାନେ କୂଳରେ ଥିବା ଲୋକଙ୍କୁ ଗୁଳି ଚାଳନା କଲେ । ସେଇଠି ଟଳି ପଡିଲେ ନିଳକଣ୍ଠପୁର ଗାଁର ଆଉ କେତେ ଜଣ - ହୁରୁଷି, ରଘୁ, ଗୁର, ନଟ, ଲକ୍ଷମଣ ଓ ଫଗୁ । ଦେଶ ପାଇଁ ଛୁଆ ବଡ଼ ମିଶି ସାତ ଜଣ ଶହିଦ ହୋଇଗଲେ । ନିଳକଣ୍ଠପୁର ଗୁଳିକାଣ୍ଡର ପରଦିନ ଅର୍ଥାତ୍ ୧୯୩୮ ମସିହା ଅକ୍ଟୋବର ମାସ ୧୨ ତାରିଖ ଦିନ ଦେଶ ପାଇଁ ପ୍ରାଣବଳି ଦେଇଥିବା ସାତଜଣ ବୀରଙ୍କର ପାର୍ଥିବ ଶରୀରକୁ କଟକ ଆଣି ବିରାଟ ପଟୁଆର ହେଲା । ଶେଷରେ ଆଜିର ଖାନ୍ନଗର ମଶାଣିରେ ଗୋଟିଏ ଚିତାରେ ସେମାନଙ୍କୁ ଦାହ କରାଗଲା ।

ଆଧାର[ସମ୍ପାଦନା]

  1. "Baji Raut: The Youngest Martyr of India". ghadar.in. Retrieved 6 November 2012. Baji Raut, the light of liberty, was born in 1925 in the Village of Nilakanthapur in Dhenkanal. 
  2. "Freedom Fighters". dhenkanal.nic.in. Retrieved 6 November 2012. He is the youngest Freedom Fighter of the Country. 
  3. ଅମର ଶହିଦ ବାଜି ରାଉତ. ସୂଚନା ଓ ଗଣସମ୍ପର୍କ ବିଭାଗ, ଓଡ଼ିଶା ସରକାର. 

ଅଧିକ ତଥ୍ୟ[ସମ୍ପାଦନା]