ପଦ୍ମ ବେଶ
ପଦ୍ମମୁଖ ବେଶ ଏକ ଭାବମୂଳକ ବେଶ ଅଟେ । କେତେକ ଗବେଷକଙ୍କ ମତରେ ଏହି ବେସର ପ୍ରବର୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ (ଶପ୍ତଦଶ ଶତାବ୍ଦୀ)।
କିମ୍ବଦନ୍ତୀ
କିମ୍ବଦନ୍ତୀ ଅନୁଯାୟୀ, ଉତ୍କଳ ଠାରୁ ଶହ ଶହ ମାଇଲ ଦୂରରେ ଥିଲେ ଜଣେ ହିନ୍ଦୀ ଭାଷୀ ସାଧୁ । ତାଙ୍କର ନାମ ଥିଲା ମନୋହର ଦାସ । ଏକଦା ମହାତ୍ମା ମନୋହର ଦାସ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ତାଙ୍କର ପ୍ରବଳ ଆକାଂକ୍ଷା ଥିଲା ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଦର୍ଶନ । ଦୀର୍ଘ ଦିନ ପାଦରେ ଚାଲି ଚାଲି ଅନେକ ଜଙ୍ଗଲ,ପାହାଡ଼,ନଈ, ରାସ୍ତା ଅତିକ୍ରମ କରି ଶାରୀରିକ ପୀଡା ସତ୍ତ୍ଵେ ସେ ଅବିଚଳିତ ଭାବେ ଆଗେଇ ଚାଲିଥାନ୍ତି । ପଥ ମଧ୍ୟରେ ରାତ୍ରି ହୋଇଗଲେ କୈଣସି ମନ୍ଦିର,ମଠ, ଆଶ୍ରମ କିମ୍ବା ବୃକ୍ଷ ତଳେ ବିଶ୍ରାମ ନିଅନ୍ତି । ପଦବ୍ରଜରେ ଯାଉଥିବା ବେଳେ ସାଧୁଙ୍କୁ ଥରେ ଭୀଷନ ଶୋଷ ହେଲା । ପାଖରେ କୈଣସି ଗ୍ରାମ କିମ୍ବା ଜଳାଶୟ ନଥିଲା । କିଛି ପଥ ଅତିକ୍ରମ କରିବା ପରେ ହଠାତ ତାଙ୍କର ଦୃଷ୍ଟି ଗୋଚର ହେଲା ଗୋଟିଏ ପୁଷ୍କରିଣୀ ମଧୟେ ଅନେକ ପଦ୍ମଫୁଲ ଫୁଟିଛି। ସେ ତାହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ କାରଣ ଶୀତଦିନରେ ପଦ୍ମଫୁଲ ଫୁଟିବା ସମ୍ଭବ ନୁହେଁ । ସେ ମନେ ମନେ ଜଗନ୍ନାଥଙ୍କୁ ସୁମରଣା କରି ପାଣି ପିଇ ପ୍ରଭୁଙ୍କ ନିମନ୍ତେ ପୁଷ୍କରିଣୀରେ ଫୁଟିଥିବା ପଦ୍ମ ପୁଷ୍ପକୁ ତୋଳି ନିକଟରେ ଥିବା ଏକ ମଇଳା ଗାମୁଛାରେ ନେଇଥିଲେ । ମାଘ ମାସ ଅମାବାସ୍ୟା ଦିନ ସେ ଶ୍ରୀକ୍ଷେତ୍ରରେ ପହଞ୍ଚି ସିଧାସଳଖଶ୍ରୀମନ୍ଦିରରେ ପ୍ରବେଶ କଲେ । ଜଗମୋହନରେ ଉପସ୍ଥିତ ଥିବା ଜନୈକ ପଣ୍ଡାଙ୍କୁ ଗାମୁଛାରେ ଯତ୍ନରେ ଥିବା ପଦ୍ମପୁଷ୍ପ ଗୁଡିକ ବଢେଇ ବିନତି କରିକହିଲେ ଯେ, ଉକ୍ତ ପୁଷ୍ପ ଗୁଡିକ ଶ୍ରୀଜୀଉମାନଙ୍କ ଚରଣାବିନ୍ଦରେ ଲାଗି କରିବା ପାଇଁ । ମଇଳା ଗାମୁଛାରେ ଥିବା ପଦ୍ମ ପୁଷ୍ପକୁ ଦେଖି ପଣ୍ଡା କ୍ରୋଧାନ୍ଵିତ ହୋଇ ତଳକୁ ଫିଙ୍ଗି ଦେଲେ । ଏ ଘଟଣାରେ ଭକ୍ତ ମନୋହର ଦୁଃଖ ଓ ଅପମାନରେ ମ୍ରିୟମାଣ ହୋଇ ଗାମୁଛାରେ ବନ୍ଧା ପୁଷ୍ପ ସବୁ ଗୋଟାଇ ଶ୍ରୀମନ୍ଦିରରୁ ପଳାଇ ଆସି ବଡ଼ଛତା ମଠ ନିକଟରେ ଜଗନ୍ନାଥଙ୍କୁ ସ୍ମରଣ କରି ମୂର୍ଚ୍ଛିତ ହୋଇପଡିଲେ । ସେହି ଦିନ ଜଗନ୍ନାଥ ମହାପ୍ରଭୁ ସ୍ଵପ୍ନାଦେଶରେ ଗଜପତି ମହାରାଜାଙ୍କୁ କହିଲେ : ମନୋହର ଆଣିଥିବା ପଦ୍ମ ପୁଷ୍ପରେ ହିଁ ଆହି ରାତ୍ରରେ ମୋର ବଡ଼ସିଂହାର ବେଶ ହେବ । ପଦ୍ମ ଚାଉଳରେ ଖିରି ଭୋଗକରି ସେହି ସାଧୁଙ୍କୁ ସେବନ କରାଇ ତାଙ୍କର ଜୀବନ୍ ରକ୍ଷା କର । [୧][୨]
ଭକ୍ତ ପ୍ରବର ସାଧୁ ମନୋହର ଦାସଙ୍କ ଶ୍ରୀଜଗନ୍ନାଥଙ୍କୁ ପଦ୍ମ ପୁଷ୍ପ ପ୍ରଦାନର କିମ୍ବଦନ୍ତୀ ମୂଳକ ଆଖ୍ୟାନ ଅନୁକ୍ରମେ ପୌଷମାସରେ ଏହି ବେଶରେ ଜଗନ୍ନାଥ ମହାପ୍ରଭୁ ସୋଲରେ ନିର୍ମିତ ପଦ୍ମ ପୁଷ୍ପ ପରିହିତ ହୋଇଥାନ୍ତି । [୩]