ମକର ସଂକ୍ରାନ୍ତି

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ
ମକର ସଂକ୍ରାନ୍ତି
Kite shop in Lucknow.jpg
ମକର ଉପଲକ୍ଷେ ଗୁଡ଼ି ବିକ୍ରି
ନାଆଁ ମକର ସଂକ୍ରାନ୍ତି
ଅନ୍ୟ ନାଆଁ ପୋଙ୍ଗଳ, ଭୋଗୀ
ପ୍ରକାର କୃଷିଭିତ୍ତିକ, ପାରମ୍ପରିକ
ବିଶେଷତା ଅମଳର ପର୍ବ, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି
ପାଳନ ମକର ଚାଉଳ ଭୋଗ, ଗୁଡ଼ି ଉଡ଼ା ପ୍ରତିଯୋଗିତା
ତାରିଖ ଜାନୁଆରୀ ୧୪

ମକର ସଂକ୍ରାନ୍ତି, ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ବିଶ୍ଵାସ[ସମ୍ପାଦନା]

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ଵର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ଵାସ କରନ୍ତି । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି । ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ଵାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉସôବ ମହାସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଦପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।

ପାରମ୍ପରିକ ରୀତିନୀତି[ସମ୍ପାଦନା]

ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦି ମିଶାଇ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା'ନ୍ତି ।

ଆଦିବାସୀଙ୍କ ମକରପର୍ବ[ସମ୍ପାଦନା]

ଓଡ଼ିଶାର ଉତ୍ତରାଞ୍ଚଳରେ, ବିଶେଷତଃ ମୟୂରଭଞ୍ଜକେନ୍ଦୁଝର ଜିଲ୍ଲାରେ ଆଦିବାସୀମାନଙ୍କର ମକରଯାତ୍ରା ଏକ ପ୍ରଧାନ ପର୍ବ । ସେମାନେ ଏହି ପର୍ବକୁ ଟୁସୁ ପରବ ରୂପେ ପାଳନ କରିଥା'ନ୍ତି । ମକର ସଂକ୍ରାନ୍ତିର ପୂର୍ବରୁ ଓ ପରେ ସମସ୍ତଙ୍କ ଘରେ ଭିନ୍ନଭିନ୍ନ ପ୍ରକାର ବ୍ୟଞ୍ଜନ ବିଭିନ୍ନ ଦିନରେ ହୋଇଥାଏ । ଏହି ପର୍ବରେ ସମସ୍ତେ ନୂଆବସ୍ତ୍ର ପରିଧାନ କରନ୍ତି । ନାଚଗୀତ ଓ ଭୋଜିଭାତରେ ମାଧ୍ୟମରେ ଏହିପର୍ବକୁ ମହା ଆନନ୍ଦରେ ଆଦିବାସୀମାନେ ପାଳନ କରିଥା'ନ୍ତି । ମକର ପର୍ବର ଟୁସୁଗୀତ ଅତ୍ୟନ୍ତ ହୃଦୟସ୍ପର୍ଶୀ । ଓଡ଼ିଶାର ସମତଳ ଅଞ୍ଚଳ ଅପେକ୍ଷା ମାଳ ଅଞ୍ଚଳରେ ମକର ଯାତ୍ରା ବଡ ଜାକଜମକକରେ ଦୀର୍ଘଦିନ ଧରି ପାଳନ କରାଯାଏ । ପ୍ରାୟ ପ୍ରତ୍ୟେକ ଆଦିବାସୀ ଗୋଷ୍ଠି ଏହି ପର୍ବ ପାଳନ କରନ୍ତି । ଏହି ସମୟରେ ଆଦିବାସୀ ଅଞ୍ଚଳଗୁଡିକ ଯାତ୍ରା ମେଳଣର ଆମୋଦପ୍ରମୋଦରେ ଜୀବନ୍ତ ହୋଇଉଠେ । ସେମାନଙ୍କ ପରମ୍ପରାରେ ମକରଯାତ୍ରା ଏକ ସ୍ନେହ, ପ୍ରେମ ଓ ସଦ୍‌ଭାବନାର ମହୋତ୍ସବ ।

କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଆସାମ, ବଙ୍ଗଳା ଓ ଓଡ଼ିଶା ପ୍ରଭୃତି ସ୍ଥାନରେ କୃଷକମାନେ ମକର ପର୍ବକୁ ଦୁଇଦିନ ବା ତିନିଦିନ ପାଳନ କରିଥା'ନ୍ତି । ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଓ ଅନ୍ୟାନ୍ୟ ସ୍ଥାନରେ ଭୋଗୀ ପର୍ବ ଭାବେ ପରିଚିତ । ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ । ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ ।

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି ପାଳନ[ସମ୍ପାଦନା]

ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତିଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥାଏ । ଘଣ୍ଟ, ଛତା, କାହାଳୀ ପଟୁଆର ସହିତ ତଳିଚ୍ଛୁ ଓ ପ୍ରଧାନୀ (ସେବକ)ଙ୍କ ହାତପୈଠ (ହାତୁଆଣୀ) ହୋଇ ରୋଷଘରଠାରୁ ଭୋଗ ଶ୍ରୀଛାମୁକୁ ଆସିଥାଏ । ଭୋଗଟେରା (ଭୋଗପୂଜା ସମୟରେ ସାଧାରଣଙ୍କ ପ୍ରବେଶ ନିରୋଧ କରିବାକୁ ଶ୍ରୀମନ୍ଦିର ଭିତର କଳାହାଟ ଦ୍ୱାର ସମ୍ମୁଖରେ ବନ୍ଧା ହେଉଥିବା କନାର ଲୁଗା) ବନ୍ଧାହେବା ପରେ ଦିଗପାଳ ବଳି ନୀତି ହୋଇଥାଏ । ଭୋଗ ବଢ଼ିବା ପରେ ପାଣି ପଡ଼ି ଧୋପଖାଳ (ଲୋକମାନଙ୍କୁ ବାହାର କରାଯାଇ ଭୋଗ ବଢ଼ାଯିବା ସ୍ଥାନ ଧୁଆଧୋଇ କରି ପରିଷ୍କାର କରାଯିବା) ହୋଇ ଟେରା ବନ୍ଧାଯାଏ । ଇତି ମଧ୍ୟରେ ମକରଚାଉଳ ପ୍ରସ୍ତୁତି ନିମନ୍ତେ ରୋଷଘରକୁ ଗୋଦାମରୁ ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରମାନ ଅଣାଯାଇଥାଏ । ହାଣ୍ଡି କୁଡ଼ୁଆ ଇତ୍ୟାଦି ସଜଡ଼ା ଯାଇଥାଏ । ସୁଦୁ ସୁଆର ସେବକ ଉପରୋକ୍ତ ଦ୍ରବ୍ୟଗୁଡ଼ିକରେ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି । ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ / ପନ୍ତିବଡ଼ୁ (ଶ୍ରୀଛାମୁରେ କୋଠଭୋଗ ବାଢ଼ିବା ସେବକ) ସେବକମାନେ ମୁହଁରେ ବାଘମୁହାଁ (ଭୋଗ ନେବାବେଳେ ପାଟିରୁ ଛେପ ନ ପଡ଼ିବା ପାଇଁ ମୁହଁରେ ବନ୍ଧାଯାଉଥିବା କନା) ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁ (ମହାନାୟକ ସେବକ ଓ ପରିଚ୍ଛାଙ୍କ ପ୍ରତିନିଧି)ଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି । ଏହାପରେ ମହାଭୋଇ (ଶ୍ରୀମନ୍ଦିରର ମୁଖ୍ୟ ଗଉଡ଼ ସେବକ) ଦୁଧ, ଗୁଡ଼ିଆ ଶାକର ଓ ଣାସବୁକୁ ଉପରୋକ୍ତ ପ୍ରକାରେ ଏକଥର ବଡ଼ଦେଉଳ ପରିକ୍ରମା କରି ଜୟବିଜୟ ଦ୍ୱାରଠାରେ ମହାସୁଆରଙ୍କ ଜିମା ଦେଲେ ମହାସୁଆର ତାକୁ ନେଇ ଛାମୁରେ ବାଢ଼ି ଥାଆନ୍ତି । ହଡ଼ପ ନାୟକ ସେବକ (ମହାପ୍ରଭୁଙ୍କ ପାଇଁ ବିଭିନ୍ନ ନୀତିରେ ରୂପାବଟାରେ ବିଡ଼ିଆପାନ ଯୋଗାଉଥିବା ସେବକ) ହଡ଼ପ (ଖିଲିପାନର ଉପକରଣ) ଘରଠାରୁ ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି । ମୁଦିରସ୍ତ / ମୁଦିହସ୍ତ / ମୁଦିରଥ (ବିବିଧ ନାମରେ ପରିଚିତ ସେବକ, ଗଜପତି ମହାରାଜାଙ୍କ ପ୍ରତିନିଧି ଭାବେ ମହାପ୍ରଭୁଙ୍କ ସେବାକାରୀ) ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି । ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ । ଏ ସଂପର୍କରେ ସ୍କନ୍ଦପୁରାଣର ବିଷ୍ଣୁଖଣ୍ଡରେ ଉଲ୍ଲେଖ ରହିଛି ଯେ ମହର୍ଷି କଶ୍ୟପ ପୂର୍ବ କଳ୍ପ (ବ୍ରହ୍ମାଙ୍କର ଏକଦିନ ମନୁଷ୍ୟ ଗଣନାରେ ୪୩୨ କୋଟି ବର୍ଷ)ରେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରୀତି ନିମନ୍ତେ ଶ୍ରୀମନ୍ଦିରରେ ଏହି ମହୋତ୍ସବ ପାଳନ କରିଥିଲେ । ଏହି ନୀତି ସଂପାଦନ ସମୟରେ ଘଣ୍ଟ, ଛତା, କାହାଳୀର ମହାର୍ଘ ପଟୁଆରରେ ହଜାର ହଜାର ଭକ୍ତ ମନ୍ଦିର ପ୍ରଦକ୍ଷିଣ କରନ୍ତି । ବିଶେଷଭାବେ ଜଗମୋହନରେ ଶ୍ରୀଜିଉଙ୍କର ଅର୍ପିତ ଅମୃତୋଗମ ମକରଚାଉଳ (ମକରାନ୍ନ କୈବଲ୍ୟ) ବା ମକରଭୋଗ ଲାଭ କରିବା ନିମନ୍ତେ ଦର୍ଶକମାନଙ୍କ ଠାରେ ପ୍ରବଳ ଆଗ୍ରହ ଦେଖାଦିଏ । ହିନ୍ଦୁ ଧର୍ମ ବିଶ୍ବାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ‘ଳ ପ୍ରାପ୍ତି ହୋଇଥାଏ । ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି ।[୧]

ଆଧାର[ସମ୍ପାଦନା]

  1. "ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି". ଆମ ବିବେକ. Retrieved 9 October 2015. 

ଅଧିକ ତଥ୍ୟ[ସମ୍ପାଦନା]