Jump to content

ରାମ ନବମୀ

ଉଇକିପିଡ଼ିଆ‌ରୁ
ଶ୍ରୀରାମ ନବମୀ
ପତ୍ନୀ ସୀତା, ଭାଇ ଲକ୍ଷ୍ମଣ ଓ ଭକ୍ତ ହନୁମାନଙ୍କ ସହ ଶ୍ରୀରାମ
ପାଳନକାରୀହିନ୍ଦୁ ଧର୍ମାମ୍ବଲମ୍ବୀ
ପ୍ରକାରଧାର୍ମିକ
ବିଶେଷତାରାମଙ୍କ ଜନ୍ମଦିନ, ରାମ ଓ ସୀତାଙ୍କ ବିବାହୋତ୍ସବ
ପର୍ବ ପାଳନପୂଜା, ବ୍ରତ, ଉପବାସ
ତାରିଖଚୈତ୍ର ଶୁକ୍ଳ ନବମୀ
୨୦୨୩ ତାରିଖ୩୧ ମାର୍ଚ୍ଚ (ଗୁରୁବାର)
୨୦୨୪ ତାରିଖ୧୭ ଅପ୍ରେଲ (ବୁଧବାର)
ସମ୍ପର୍କିତରାମ, ସୀତା

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।

ଶ୍ରୀମନ୍ଦିରରେ ରାମ ନବମୀ ନୀତି

[ସମ୍ପାଦନା]

ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି ।