ସାରଳା ମହାଭାରତ

ଉଇକିପିଡ଼ିଆ‌ରୁ

ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦଗୁଡ଼ିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି । [୧]

ଆଧାର[ସମ୍ପାଦନା]

  1. ସାହିତ୍ୟ ବର୍ଣ୍ଣାଳୀ